ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ପୂଜା ଛୁଟି ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ, କଲେଜ

1 min read

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ରାଜ୍ୟରେ କୋଭିଡ ପରିଚାଳନା ସମ୍ପର୍କରେ ସମୀକ୍ଷା କରିଥିଲେ । ବର୍ତ୍ତମାନର ପରିସ୍ଥିତିରେ ଛାତ୍ରଛାତ୍ରୀ ଓ ଅଭିଭାବକ ମାନଙ୍କ ଉଦ୍‌ବେଗକୁ ଦୃଷ୍ଟିରେ ରଖି ସ୍କୁଲ କଲେଜ ପୂଜା ଛୁଟି ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ସେହିପରି ଗ୍ରାମ୍ୟ ଅର୍ଥନୀତିର ପୁନଃରୁଦ୍ଧାର ପାଇଁ ଅଧିକ ଋଣ ସହାୟତା, MSME, କୃଷି, ମତ୍ସ୍ୟ ଓ ପଶୁପାଳନ ଏବଂ SHG ଉପରେ ଅଧିକ ଫୋକସ୍‌ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । କୋଭିଡ୍ ପରିସ୍ଥିତି ଯୋଗୁଁ ଅନ୍ୟ ରାଜ୍ୟରୁ ଆସିଥିବା ଭାଇଭଉଣୀମାନେ ଯେପରି ଓଡ଼ିଶାରେ ରୋଜଗାର ପାଇପାରିବେ । ସେଥିପାଇଁ ସେମାନଙ୍କୁ ଛୋଟ ଛୋଟ ବ୍ୟବସାୟ ପାଇଁ ରିହାତିରେ ଋଣ ଯୋଗାଇ ଦିଆଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ । ସେହିପରି ନିର୍ମାଣ ଶ୍ରମିକ ଯୋଜନାରେ ସେମାନଙ୍କର ଦକ୍ଷତା ନିରୂପଣ ଓ ପଞ୍ଜିକରଣ ସୁବିଧାରେ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଛେଳି, କୁକୁଡା ପାଳନ, ମତ୍ସ୍ୟ ଚାଷ ଆଦି ବିଭିନ୍ନ ଜୀବିକା କାର୍ଯ୍ୟକ୍ରମ ଲୋକଙ୍କୁ ରୋଜଗାର ଦେବାରେ ବିଶେଷ ସଫଳ ହେଉଥିବାରୁ, ଏହାକୁ ଅଧିକ ବ୍ୟାପକ କରିବା ଏବଂ ଅଧିକ ଲୋକଙ୍କୁ ଏଥିରେ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।


ମାସ୍କ ତିଆରିରେ ନିୟୋଜିତ ଥିବା SHGର ମାଆ ମନେ ଯେଭଳି ଏହି ସମୟରେ ରୋଜଗାର କରିପାରିବେ, ସେଥିପାଇଁ ବିଧାୟକ ଆଞ୍ଚଳିକ ବିକାଶ ପାଣ୍ଠି ଅର୍ଥରେ SHGରୁ ମାସ୍କ କିଣାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । SHG ମାନେ ଯେପରି ସୁବିଧାରେ ଋଣ ପାଇପାରିବେ, ସେଥିପାଇଁ ଦୃଷ୍ଟି ରଖିବା ସହିତ ବ୍ୟାଙ୍କ ମାନଙ୍କ ସହିତ ଯୋଗାଯୋଗରେ ରହିବା ପାଇଁ ପରାମର୍ଶ ଦେଇଥିଲେ। ଗ୍ରାମାଞ୍ଚଳରେ ନିର୍ମାଣ କାର୍ଯ୍ୟ ବିଶେଷ କରି ଗୃହ ନିର୍ମାଣ କାମ ଉପରେ ଅଧିକ ଗୁରୁତ୍ୱ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଏତଦ୍‌ବ୍ୟତୀତ ଚାଷୀ ମାନଙ୍କୁ ସୁବିଧାରେ ଏବଂ ଶୀଘ୍ର କୃଷି ଋଣ ଯୋଗାଣ ଏବଂ କ୍ଷୁଦ୍ର, ମଧ୍ୟମ ଓ ଅଣୁ ଶିଳ୍ପର ପୁନରୁଦ୍ଧାରର ଆବଶ୍ୟକତାକୁ ଦୃଷ୍ଟିରେ ରଖି ସହାୟତା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

କୋଭିଡ ପରିଚାଳନା ସଂପର୍କରେ ମୁଖ୍ୟମନ୍ତ୍ରୀ କହିଥିଲେ ମହାମାରୀ ସମୟରେ ଆତ୍ମସନ୍ତୋଷ ହିଁ ସବୁଠାରୁ ବଡ଼ ଶତ୍ରୁ । ତେଣୁ ସାଧାରଣ ଲୋକ ହୁଅନ୍ତୁ, ବା ସରକାରୀ କର୍ମଚାରୀ ସମସ୍ତେ ଏଥିପ୍ରତି ସତର୍କ ରହି କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ରାଜ୍ୟରେ ଅଧିକ ଟେଷ୍ଟିଂ କରାଯାଉଥିବା ସହିତ ପଜିଟିଭ୍ ହାର କମିଥିବା ଏବଂ ମୃତ୍ୟୁ ହାର ମଧ୍ୟ କମି ଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ । ହଟସ୍ପଟ୍ ଜିଲ୍ଲା ମାନଙ୍କରେ ଯେଉଁ ଅଞ୍ଚଳଭିତ୍ତିକ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରାଯାଇଛି, ତାକୁ କଡାକଡ଼ି ଭାବରେ ପାଳନ କରିବା ସହିତ ଆଗାମୀ ସପ୍ତାହ ବେଳକୁ ଯେଭଳି ପରିସ୍ଥିତିରେ ଆଖିଦୃଶିଆ ଉନ୍ନତି ଆସିପାରିବ, ସେ ଦିଗରେ କାମ କରିବା ପାଇଁ ଜିଲ୍ଲା ପର୍ଯ୍ୟବେକ୍ଷକ ମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ବିଭିନ୍ନ ଆଞ୍ଚଳିକ କୋଭିଡ୍ ଚିକିତ୍ସାଳୟ ମାନଙ୍କରେ ଆବଶ୍ୟକ ମୁତାବକ ICU ଶଯ୍ୟାର ଉପଲବ୍ଧତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ । ତା ସହିତ କୋଭିଡ୍ ନିୟମାବଳୀକୁ କଡାକଡ଼ି ଭାବରେ ପାଳନ କରି ସରକାରୀ ଅଫିସ ଗୁଡିକୁ ସଂକ୍ରମଣମୁକ୍ତ ରଖିବାକୁ ସବୁପ୍ରକାର ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

କୋଭିଡ ଯୋଦ୍ଧା ମାନଙ୍କ ଭିତରେ ସଂକ୍ରମଣ ହାର କମୁଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ଏବଂ ମାସ୍କର ବ୍ୟବହାର, ସାମାଜିକ ଦୂରତା ବିଷୟରେ ଆହୁରି ଜନସଚେତନତା କରିବା ପାଇଁ ପରାମର୍ଶ ଦେଇଥିଲେ । ସହିଦ୍‌ କୋଭିଡ ଯୋଦ୍ଧା ମାନଙ୍କର ବ୍ୟକ୍ତିଗତ ପାଉଣା ଆସନ୍ତା ଶୁକ୍ରବାର ସୁଦ୍ଧା ତାଙ୍କ ଆତ୍ମୀୟ ମାନଙ୍କୁ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ କଡା ନିର୍ଦ୍ଦେଶ ଦେଇଥିଲେ ।

କୃଷି ମନ୍ତ୍ରୀ ଶ୍ରୀ ଅରୁଣ ସାହୁ, ସରକାରୀ ମୁଖ୍ୟ ସଚେତକ ଶ୍ରୀମତୀ ପ୍ରମିଳା ମଲ୍ଲିକ, ବିଧାୟକ ସର୍ବଶ୍ରୀ ଦେବୀ ପ୍ରସାଦ ମିଶ୍ର, ଓ ଅତନୁ ସବ୍ୟସାଚୀ ନାୟକ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି ଗ୍ରାମ୍ୟ ଅର୍ଥନୀତି ପୁନରୁଦ୍ଧାର ପ୍ୟାକେଜ, ପ୍ଲାଜମା ସଂଗ୍ରହ ଏବଂ ଅନ୍ୟ ରାଜ୍ୟରୁ ଆସିଥିବା ଓଡ଼ିଆ ଶ୍ରମିକ ମାନଙ୍କର ପଞ୍ଜିକରଣ ସମସ୍ୟା ଆଦି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ ତ୍ରିପାଠୀ ରାଜ୍ୟର ଅର୍ଥନୀତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ବିସ୍ତୃତ ଭାବରେ ଅବଗତ କରାଇଥିଲେ ଏବଂ ଜୁଲାଇ ମାସରୁ ପରିସ୍ଥିତିରେ ସୁଧାର ପରିଲକ୍ଷିତ ହେଉଛି ବୋଲି ଜଣାଇଥିଲେ ।

ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ୍ତ କୁମାର ମହାପାତ୍ର କୋଭିଡ୍ ପରିସ୍ଥିତି ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ । ରାଜ୍ୟରେ ସୁସ୍ଥତା ହାର ଗତ ସପ୍ତାହରୁ ବଢି ୭୧.୩ ପ୍ରତିଶତରେ ପହଞ୍ଚିଥିବା ବେଳେ ମୃତ୍ୟୁ ହାର ହ୍ରାସ ପାଇ ୦.୦୫ ପ୍ରତିଶତ ହୋଇଛି । ୫୪ ପ୍ରତିଶତ ସକ୍ରିୟ ସଂକ୍ରମିତ ରୋଗୀ ଗୃହ ସଂଗରୋଧରେ ରହୁଛନ୍ତି ।

Leave a Reply