ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ, ଆଗୁଆ ପ୍ରସ୍ତୁତି ଓ ତ୍ୱରିତ ପଦକ୍ଷେପ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

1 min read

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଆଗୁଆ ପ୍ରସ୍ତୁତି, ତ୍ୱରିତ ଉଦ୍ଧାର ଓ ପୁନର୍ଗଠନ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି । ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଭିନ୍ନ ବିପର୍ଯ୍ୟୟରେ ଜନସାଧାରଣଙ୍କ ଉପରକୁ ଆସୁଥିବା ବିପଦକୁ କମ୍‌ କରିବା ପାଇଁ ରାଜ୍ୟ ସରକାର ଅନେକ ଫଳପ୍ରଦ ପଦକ୍ଷେପ ଗ୍ରହଣ କରିଆସିଛନ୍ତି । ସରକାରଙ୍କ ପ୍ରସ୍ତୁତି ଗତିଶୀଳ, ସାମଗ୍ରିକ ଏବଂ ଭାଗିଦାରୀ ମୂଳକ ହେବା ଉଚିତ୍‌ । ଆଗୁଆ ପ୍ରସ୍ତୁତି, ତ୍ବରିତ ଉଦ୍ଧାର ଏବଂ ପୁନର୍ଗଠନ ପାଇଁ ବିଭିନ୍ନ ପଦକ୍ଷେପ ସହିତ ଦୀର୍ଘକାଳୀନ ମୁକାବିଲା କାର୍ଯ୍ୟକ୍ରମ ହେଉଛି ବିପର୍ଯ୍ୟୟ ପରିଚାଳନା ଦୃଷ୍ଟିଭଙ୍ଗୀର ମୂଳନୀତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଗୋଷ୍ଠୀଭିତ୍ତିକ ପ୍ରସ୍ତୁତି କାର୍ଯ୍ୟକ୍ରମକୁ ସଂସ୍ଥାଗତ ଢାଞ୍ଚା ପ୍ରଦାନ କରିବାରେ ଓଡିଶା ସର୍ବାଗ୍ରେ ରହିଛି । ଗୋଷ୍ଠୀଭିତ୍ତିକ ପରିଚାଳନାରେ ଆମର ଅଭିଜ୍ଞତା କୋଭିଡ୍‌ ପରିଚାଳନାରେ ମଧ୍ୟ ବହୁ ପରିମାଣରେ ଉପାଦେୟ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

CM Naveen

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ଗତ ୩ ମାସ ଧରି କୋଭିଡ୍‌-୧୯ ମହାମାରୀ ରାଜ୍ୟର ଜନସାଧାରଣଙ୍କ ଦୈନନ୍ଦିନ ଜୀବନକୁ ଗଭୀର ଭାବେ ପ୍ରଭାବିତ କରିଛି । ରାଜ୍ୟରେ ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ନିଆଯାଇଥିବା ପଦକ୍ଷେପ ଯୋଗୁ ଓଡିଶା ଆଜି ଏ କ୍ଷେତ୍ରରେ ଭଲ ସ୍ଥିତିରେ ରହିଛି । ଏହି ଅବସରରେ କୋଭିଡ ମୁକାବିଲାରେ ଜନସାଧାରଣଙ୍କ ସହଯୋଗ ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି ।

ମୁଖ୍ୟମନ୍ରୀ କହିଛନ୍ତି, ଓଡ଼ିଶା ଏକ ପ୍ରାକୃତିକ ବିପର୍ଯ୍ୟୟ ପ୍ରବଣ ରାଜ୍ୟ । ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ରାଜ୍ୟ ଅନେକ ବିପଦର ସମ୍ମୁଖୀନ ହେଉଥିଲେ ମଧ୍ୟ ପରିସ୍ଥିତିର ମୁକାବିଲା କରିବା ପାଇଁ ପ୍ରସ୍ତୁତ । ଗତ ବର୍ଷ ଫନି ଓ ବୁଲବୁଲ ଭଳି ବାତ୍ୟା ସହିତ ବନ୍ୟା, ବର୍ଷା ଏବଂ ଅନେକ ସ୍ଥାନୀୟ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା ଓଡ଼ିଶା । ଚଳିତ ବର୍ଷ ମଧ୍ୟ ଉତ୍ତର ଉପକୂଳ ଜିଲ୍ଲା ଗୁଡିକ ମେ’ ମାସର ତୃତୀୟ ସପ୍ତାହରେ ମହାବାତ୍ୟା ଅମ୍ଫନ ଦ୍ୱାରା ପ୍ରଭାବିତ ହୋଇଥିଲା । ଓଡିଶାର ଜନସାଧାରଣଙ୍କ ସହଯୋଗରେ ଆମେ କେବଳ ଏହିସବୁ ବିପର୍ଯ୍ୟୟର ମୁକାବିଲା କରିବା ପାଇଁ ସଫଳ ହୋଇନାହୁଁ, ତା ସହିତ ପଡୋଶୀ ରାଜ୍ୟ ପଶ୍ଚିମବଙ୍ଗକୁ ମଧ୍ୟ ତାର ବିପଦ ସମୟରେ ସହାୟତା ଯୋଗାଇ ଦେଇପାରିଛୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

CM Naveen

ସବୁବେଳେ ଅତୀତର ବିପର୍ଯ୍ୟୟ ଗୁଡିକରୁ ଆମେ ଶିକ୍ଷା ଗ୍ରହଣ କରିଆସିଛୁ ଏବଂ ସମ୍ଭାବ୍ୟ ଦୁର୍ବିପାକ ପାଇଁ ପ୍ରସ୍ତୁତିରେ ଉନ୍ନତି ଆଣିବା ପାଇଁ ନିରନ୍ତର ପ୍ରଚେଷ୍ଟା ଜାରି ରହିଛି । ‘ଅଭିଜ୍ଞତାରୁ ଶିକ୍ଷା’ ଏବଂ ‘ପରବର୍ତ୍ତୀ ପ୍ରସ୍ତୁତି’ରେ ଉନ୍ନତିର ଏହି ନିରନ୍ତର ପ୍ରକ୍ରିୟା ପାଇଁ ଆମକୁ ସବୁ କ୍ଷେତ୍ରରୁ ପ୍ରଶଂସା ମିଳିଛି ବୋଲି ମୁଖ୍ୟମନ୍ରୀ କହିଛନ୍ତି ।

CM Naveen

ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଠିକ୍‌ ସମୟରେ ଆସିଛି । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଚଳିତ ବର୍ଷ ଭଲ ବର୍ଷା ହେବାର ଆଶା ରହିଛି । ଜୁନ୍‌ ଠାରୁ ଅକ୍ଟୋବର ପର୍ଯ୍ୟନ୍ତ ସମୟ ହେଉଛି ଖୁବ୍‌ ଗୁରୁତ୍ବପୂର୍ଣ୍ଣ । ଏହି ସମୟରେ ବନ୍ୟା, ବାତ୍ୟା, ମରୁଡି ଭଳି ପ୍ରାକୃତିକ ବିପର୍ଯ୍ୟୟ ଆସିପାରେ । ଏହିସବୁ ବିପର୍ଯ୍ୟୟ ପାଇଁ ଆମର ପ୍ରସ୍ତୁତିକୁ ନିରନ୍ତର ସମୀକ୍ଷା କରିବା ଦରକାର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Leave a Reply