ଲଘୁଚାପ ପ୍ରଭାବରେ ବର୍ଷା ଜାରି, ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର: ଓଡ଼ିଶା ଓ ପଶ୍ଚିମବଙ୍ଗ ସୀମାନ୍ତ ଉତ୍ତର ଉପକୂଳ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ସକ୍ରିୟ ରହିଛି । ଏହାର ପ୍ରଭାବରେ ମୌସୁମି ମଧ୍ୟ ସକ୍ରିୟ ଅବସ୍ଥାରେ ଅଛି । ଫଳରେ ଆସନ୍ତା ୧୭ ତାରିଖ ଯାଏ ବିଭିନ୍ନ ଜିଲାରେ ବର୍ଷା ହେବ। ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ହସ୍ତଗତ ସୂଚନା ଅନୁସାରେ, ଆଜି ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗୀର, ଦେବଗଡ଼, ଅନୁଗୋଳ, ବୌଦ୍ଧ, ନୂଆପଡ଼ା ଓ ସୋନପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମିବା ସହ ମାଟି ଘର କ୍ଷତିଗ୍ରସ୍ତ ହେବାର ସମ୍ଭାବନା ଅଛି । ଅପରପକ୍ଷେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କଳାହାଣ୍ଡି ଓ ଢ଼େଙ୍କାନାଳ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ତେବେ ୧୬ ତାରିଖରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ବରଗଡ଼, ନୂଆପଡ଼ା, ନବରଙ୍ଗପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସମୁଦ୍ର ମଧ୍ୟରେ ୪୫ରୁ ୫୫ କିମି ବେଗରେ ପବନ ବହିବା ସମ୍ଭାବନା ଥିବାରୁ ୧୬ ତାରିଖ ପର୍ୟ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବା ପାଇଁ ସତର୍କ ସୂଚନା ଜାରି କରାଯାଇଛି।

Leave a Reply