ଜଳସମ୍ପଦ ବିଭାଗର ୪ଟି ଅନ୍ଲାଇନ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଏଣିକି ମୋବାଇଲରେ ହେବ ଜଳସେଚନ ସମସ୍ୟା ସମାଧାନ
1 min readଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଲୋକପ୍ରିୟ ୫-ଟି କାର୍ଯ୍ୟକ୍ରମ ଆଜି ଚାଷୀ ଓ ଜଳସମ୍ପଦ ବିଭାଗକୁ ସିଧାସଳଖ ଯୋଡି ପାରିଛି। ଏଣିକି ମୋବାଇଲ ଫୋନର ଫଟୋ ଓ ଭିଡିଓ ଜରିଆରେ ଚାଷୀ ଜଳସେଚନ ସମସ୍ୟା ସଂପର୍କରେ ସିଧା ଜଣାଇପାରିବେ । କୌଣସି ସମସ୍ୟା ପାଇଁ ଚାଷ କାମ ଛାଡି ଆଉ ଚାଷୀକୁ ଅଫିସକୁ ଦୌଡିବାକୁ ଦରକାର ହେବ ନାହିଁ ।
ମୋବାଇଲ ଫଟୋରୁ ହେବ ସମସ୍ୟାର ସମାଧାନ। ଅନ୍ଲାଇନ ଅଭିଯୋଗ ପରିଚାଳନା ବ୍ୟବସ୍ଥା “ସେଚ ସମାଧାନ” ଚାଷୀ ଭାଇ ମାନଙ୍କ ପାଇଁ ଏହି ସୁଯୋଗ ଆଣିଛି। ସେଚ ସମାଧାନ” ସହିତ ବିଜୁ କୃଷକ ଯୋଜନାରେ ଗୋଷ୍ଠୀ ଉଠାଜଳସଚେନ ପ୍ରକଳ୍ପ ପାଇଁ ଅନ୍ଲାଇନ ଆବେଦନ ପ୍ରକ୍ରିୟା, ଶିଳ୍ପସଂସ୍ଥା ମାନଙ୍କ ପାଇଁ ଜଳ ଆବଣ୍ଟନ ଆବେଦନ ପକ୍ରିୟା ଏବଂ ବ୍ୟବସାୟିକ ଓ ଅନ୍ୟ ସଂସ୍ଥା ପାଇଁ ଆବେଦନ ପୋର୍ଟାଲ ଏହିପରି ୪ଟି ଗୋଟି ଅନ୍ଲାଇନ ସେବା ବ୍ୟବସ୍ଥାର ଶୁଭାରମ୍ଭ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ସମ୍ପାଦିତ ହୋଇଛି ।
ଏହି କାର୍ଯ୍ୟକ୍ରମରେ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ, ଚାଷୀମାନେ ହେଉଛନ୍ତି ଜଳସମ୍ପଦ ବିଭାଗର ସର୍ବବୃହତ ହିତାଧିକାରୀ। ତେଣୁ ଏହି ଅନ୍ଲାଇନ ସେବା ଚାଷୀମାନଙ୍କ ଅଭିଯୋଗର ତୁରନ୍ତ ସମାଧାନ ଦିଗରେ ବିଶେଷ ସହାୟକ ହେବା ସହିତ ବୈଷୟିକ ଜ୍ଞାନକୌଶଳର ବ୍ୟବହାର ଦ୍ୱାରା ବିଭାଗକୁ ଅଧିକ ଉତ୍ତରଦାୟୀ ଓ ସ୍ବଚ୍ଛ ସେବା ପ୍ରଦାନରେ ସହାୟକ ହେବ । ଏଥି ସହିତ ବିଜୁ କୃଷକ ଯୋଜନାର ଆବେଦନ ପ୍ରକ୍ରିୟାକୁ ମଂଜୁର କରିବାରେ ମଧ୍ୟ ସମୟୋଚିତ ପଦକ୍ଷେପ ନିଆଯାଇପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।ସେହିପରି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟିକ ପ୍ରତିଷ୍ଠାନ ମାନଙ୍କ ପାଇଁ କରାଯାଇଥିବା ଅନଲାଇନ ସେବା ମଧ୍ୟ ସେମାନଙ୍କ ପାଇଁ ବିଶେଷ ଉପଯୋଗୀ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଥିଲେ । ସହିତ ଲୋକଙ୍କୁ ନିଜ ଘର ପାଖରେ ସରକାରୀ ସେବା ଯୋଗାଇବା ପାଇଁ ଥିବା ଲକ୍ଷ୍ୟ ପୂରଣରେ ଏହା ସହାୟକ ହୋଇପାରିବ ବୋଲି ପଟ୍ଟନାୟକ କହିଥିଲେ ।ଏହି ସେବା ବିଷୟରେ ବହୁଳ ଜନସଚେତନତା ଊପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ। ଏହି ଅବସରରେ ଜଳସମ୍ପଦ ବିଭାଗ ପକ୍ଷରୁ ଅନ୍ୟତମ ୫-ଟି ଲକ୍ଷ୍ୟ ଡିଜିଟାଲ ମଷ୍ଟର ରୋଲ୍ ପ୍ରସ୍ତୁତି କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।