ବେଦବ୍ୟାସ ପୀଠ ବୁଲି ଦେଖିଲେ ୫T ସଚିବ, ବିକାଶ ଯୋଜନା ୧୫ ଦିନ ମଧ୍ୟରେ ପ୍ରସ୍ତୁତ କରିବେ ଜିଲ୍ଲାପାଳ

1 min read

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ 5T ସଚିବ ଭି କେ ପାଣ୍ଡିଆନ୍ ଶନିବାର ରାଉରକେଲା ନିକଟସ୍ଥ ବେଦବ୍ୟାସ ପୀଠ ପରିଦର୍ଶନ କରିଥିଲେ । 5T ଉପକ୍ରମରେ ପୀଠର ବିକାଶ ସମ୍ପର୍କରେ ଟ୍ରଷ୍ଟ ବୋର୍ଡର ସଭ୍ୟ, ସେବାୟତ ଏବଂ ସ୍ଥାନୀୟ ଜନସାଧାରଣଙ୍କ ସହ ଶ୍ରୀ ପାଣ୍ଡିଆନ୍ ଆଲୋଚନା କରି ଥିଲେ । ପନ୍ଦର ଦିନ ମଧ୍ୟରେ ଏ ସମ୍ପର୍କରେ ଏକ ବିସ୍ତ୍ରୁତ ଯୋଜନା ପ୍ରସ୍ତୁତ କରି ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରିବାକୁ ଜିଲ୍ଲାପାଳଙ୍କୁ ଶ୍ରୀ ପାଣ୍ଡିଆନ୍ କହିଥିଲେ । ଏହି ଆଲୋଚନାରେ ମୁଖ୍ୟତଃ ସ୍ଵର୍ଗଦ୍ଵାରର ବିକାଶ , ନଦୀ ସମୁଖ ଭାଗର ଉନ୍ନତିକରଣ, ଯାତ୍ରୀମାନଙ୍କ ପାଇଁ ବିଭିନ୍ନ ଭିତ୍ତିଭୂମି ସୁବିଧାର ବିକାଶ, ଯାତ୍ରୀ ନିବାଶ ନିର୍ମାଣ ଏବଂ ଲାଇଟ୍ ଓ ସାଉଣ୍ଡ ଶୋ’ର ବ୍ୟବସ୍ଥା ଉପରେ ଆଲୋକପାତ କରାଯାଇଥିଲା ।

ବେଦବ୍ୟାସ ଓଡ଼ିଶାର ଏକ ପ୍ରମୁଖ ତୀର୍ଥ ସ୍ଥାନ । ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ଅନେକ ଯାତ୍ରୀ ଏ ପୀଠ କୁ ଆସିଥାନ୍ତି । ତେଣୁ ଏ ପୀଠର ସର୍ବାଙ୍ଗୀନ ଉନ୍ନତି ପାଇଁ ରାଜ୍ୟ ସରକାର ନିଷ୍ଠାର ସହ ଉଦ୍ୟମ ଜାରି ରଖିଛନ୍ତି ବୋଲି ଶ୍ରୀ ପାଣ୍ଡିଆନ୍ ପ୍ରକାଶ କରିଥିଲେ । ଏ ପୀଠର ରୂପାନ୍ତର କରି ଏହାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସରକାରଙ୍କ ଉଦ୍ୟମ ଜାରି ରହିବ ବୋଲି ସେ କହିଥିଲେ । ଏହି ପରିଦର୍ଶନ ସମୟରେ ସୁନ୍ଦରଗଡ଼ ଜିଲ୍ଲାପାଳ ପରାଗ ଗଭାଲି, ରାଉରକେଲା ମୁନିସପାଲ କମିଶନର ଶୁଭଙ୍କର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ ।