spot_img

Latest Posts

5T ସ୍କୁଲ ରୂପାନ୍ତରଣ; ୪ର୍ଥ ପର୍ଯ୍ୟାୟରେ ୨୮୬ ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: 5T ସ୍କୁଲ ରୂପାନ୍ତରଣ ଅଭିଯାନର ଚତୁର୍ଥ ପର୍ଯ୍ୟାୟର ଚତୁର୍ଥ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୮୬ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଖୋର୍ଦ୍ଧା, ସୁବର୍ଣ୍ଣପୁର, ପୁରୀ, ନୟାଗଡ଼, ବୌଦ୍ଧ ଓ ନବରଙ୍ଗପୁର ଆଦି ୬ଟି ଜିଲ୍ଲାର ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରାଯାଇଛି। ଏଥିରେ ଖୋର୍ଦ୍ଧା ଜିଲ୍ଲାର ୮୦ଟି ହାଇସ୍କୁଲ, ସୁବର୍ଣ୍ଣପୁରର ୧୪ଟି, ପୁରୀର ୫୩ଟି, ନୟାଗଡ଼ର ୭୫ଟି, ବୌଦ୍ଧର ୧୦ଟି ଓ ନବରଙ୍ଗପୁରର ୫୪ଟି ହାଇସ୍କୁଲ ଅନ୍ତର୍ଭୁକ୍ତ। ପୂର୍ବରୁ ତିନୋଟି ପର୍ଯ୍ୟାୟରେ ରାଜ୍ୟରେ ୬୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି।

ତେବେ ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ଏହି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮୬୭୭ଟି ସ୍କୁଲ ରୂପାନ୍ତରିତ ହେବ । ଛାତ୍ରଛାତ୍ରୀ ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି- ରୂପାନ୍ତରିତ ସ୍କୁଲରେ ପିଲାଙ୍କ ସଫଳ ଭବିଷ୍ୟତ ପାଇଁ ସବୁ ସୁଯୋଗ ରହିଛି। ଆଜିର ପିଲାମାନେ ଆଗାମୀ ଦିନରେ ନୂଆ ଓଡ଼ିଶା, ସଶକ୍ତ ଓଡ଼ିଶାର ସାରଥୀ ହେବେ । ଏବେ ଓଡିଶାରେ ରୂପାନ୍ତରର ଯୁଗ ଚାଲିଛି। ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ। ସ୍କୁଲ ରୂପାନ୍ତର ଓଡିଆ ଜାତିରେ ନୂଆ ଜାଗରଣର ମାର୍ଗ ପ୍ରଶସ୍ତ କରିଛି ବୋଲି ସେ କହିଥିଲେ । ସ୍କୁଲ କଲେଜ ଠାରୁ ଆରମ୍ଭ କରି ହସ୍‌ପିଟାଲ, ପର୍ଯ୍ୟଟନ କ୍ଷେତ୍ର, ମଠ ମନ୍ଦିର, ପଞ୍ଚାୟତ, ଗାଁ ସବୁଠାରେ ରୂପାନ୍ତର କାର୍ଯ୍ୟ ଚାଲିଛି । ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଏହି ରୂପାନ୍ତର ରାସ୍ତା ପ୍ରସ୍ତୁତ କରୁଛି।

ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ଆହ୍ବାନ ଦେଇ କହିଥିଲେ ଯେ ତୁମେମାନେ ତୁମ ଜୀବନରେ 5T ନୀତିର ପ୍ରୟୋଗ କର । ଏହା ତୁମ ମାନଙ୍କ ପାଇଁ ସଫଳତା ଆଣିଦେବ। ତୁମେ ମାନେ ନୂଆ ନୂଆ ବୈଷୟିକ ଜ୍ଞାନକୌଶଳ ବିଷୟରେ ଜାଣିବାକୁ ଚେଷ୍ଟା କର। ମିଳିମିଶି କାମ କର। କ୍ରୀଡା କ୍ଷେତ୍ରରେ ଟିମ୍‌ ୱାର୍କର ବିଶେଷ ଭୂମିକା ରହିଛି । ସ୍ବଚ୍ଛତା ଓ ସାଧୁତା ହେଉଛି ମଣିଷ ଜୀବନର ଶ୍ରେଷ୍ଠ ଗୁଣ। ଜୀବନର ସବୁ କ୍ଷେତ୍ରରେ ସାଧୁତା ଅବଲମ୍ବନ କରିବାକୁ ଚେଷ୍ଟା କର। ସମୟ ହେଉଛି ତୁମ ମାନଙ୍କ ପାଇଁ ସବୁଠାରୁ ମୂଲ୍ୟବାନ। ସମୟକୁ ନଷ୍ଟ ନ କରି ତାର ଉପଯୋଗ କର । କାର୍ଯ୍ୟକ୍ରମରେ ଯୋଗ ଦେଇ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଲେ ଯେ ରାଜ୍ୟର ଛାତ୍ରଛାତ୍ରୀମାନେ ନିଜର ଭବିଷ୍ୟତକୁ ନେଇ ଯେଉଁସବୁ ସ୍ବପ୍ନ ଦେଖିଛନ୍ତି, ତାକୁ ସାକାର କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ରୂପାନ୍ତରିତ ସ୍କୁଲରେ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦେଇଛନ୍ତି। ଶିକ୍ଷା କ୍ଷେତ୍ରରେ ଓ ଭବିଷ୍ୟତ ନିର୍ମାଣ ପାଇଁ ଏହା ସେମାନଙ୍କୁ ସଶକ୍ତ କରିବ । ଏହି ରୂପାନ୍ତରିତ ସ୍କୁଲ ଗୁଡିକ ହେଉଛି ଆପଣମାନଙ୍କ ସମ୍ପତ୍ତି, ରାଜ୍ୟବାସୀଙ୍କ ସମ୍ପତ୍ତି । ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ ପ୍ରତି ସମସ୍ତେ ଦାୟିତ୍ବବାନ ହେବାକୁ ସେ ପରାମର୍ଶ ଦେଇଥିଲେ ।

Latest Posts

Don't Miss