ନୀତି ଆୟୋଗ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ସହ ମୁଖ୍ଯମନ୍ତ୍ରୀଙ୍କ ଆଲୋଚନା

ନନ୍ଦିଘୋଷ ବ୍ୟୁରୋ: ଲୋକସେବା ଭବନରେ ନୀତି ଆୟୋଗର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ବି.ଭି.ଆର୍ ସୁବ୍ରମନିୟମ୍ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଓଡିଶା ପାଇଁ ଏକ ଭିଜନ ଡକ୍ଯୁମେଣ୍ଟ ୨୦୩୬ ଏବଂ ଭିଜନ ଡକ୍ଯୁମେଣ୍ଟ ୨୦୪୭ ପ୍ରସ୍ତୁତ କରିବା ସମ୍ପର୍କରେ ସେ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡିଶାର ବିଭିନ୍ନ କ୍ଷେତ୍ରରେ ବିକାଶର ବ୍ୟାପକ ସମ୍ଭାବନା ରହିଛି । ସମ୍ଭାବନାକୁ ସଫଳତାରେ ପରିଣତ କରିବା ଓ ଉପଯୁକ୍ତ କାର୍ଯ୍ୟାନ୍ବୟନ ଦ୍ୱାରା ବିକାଶର ଲକ୍ଷ୍ୟ ହାସଲ କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ । ୨୦୩୬ରେ ସ୍ୱତନ୍ତ୍ର ଓଡିଶା ଗଠନର ୧୦୦ ବର୍ଷ ପୂରଣ ହେଉଛି । ତେଣୁ ୨୦୩୬ ଓ ୨୦୪୭କୁ ଲକ୍ଷ୍ୟ ରଖି ଦୁଇଟି ଭିଜନ ଡକ୍ଯୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ମୁଖ୍ଯମନ୍ତ୍ରୀ ପ୍ରସ୍ତାବ ଦେଇଥିଲେ। ସେ କହିଥିଲେ ଯେ ବର୍ତ୍ତମାନ ଓଡିଶାର ଅର୍ଥନୀତିର ଆକାର ୧୦୦ ବିଲିଅନ୍ ଡଲାରୁ ଅଧିକ ଅଛି । ୨୦୩୬ ସୁଦ୍ଧା ୫୦୦ ବିଲିଅନ୍ ଡଲାର ଓ ୨୦୪୭ ସୁଦ୍ଧା ୧.୫୦ ଟ୍ରିଲିଅନ୍ ଡଲାର ଅର୍ଥନୀତି ହାସଲ କରିବା ପାଇଁ ଓଡିଶା ଲକ୍ଷ୍ୟ ରଖିଛି । ପୂର୍ଣ୍ଣ ସହଯୋଗ ଯୋଗାଇଦିଆଯିବ ବୋଲି ନୀତି ଆୟୋଗର ସି.ଇ.ଓ ପ୍ରତିଶୃତି ଦେଇଛନ୍ତି । ଏଥିପାଇଁ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଷ୍ଟିୟରିଂ କମିଟି ଗଠନ କରାଯିବ।  ନୀତି ଆୟୋଗ ସହଯୋଗରେ ଆସନ୍ତା ୩ ମାସ ମଧ୍ୟରେ ଓଡିଶା ପାଇଁ ଭିଜନ ଡକ୍ଯୁମେଣ୍ଟ ପ୍ରସ୍ତୁତ କରାଯିବ ।