ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ

ନନ୍ଦିଘୋଷ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହେବ ସିରିଜ ଲଘୁଚାପ । ସେପ୍ଟେମ୍ବର ପ୍ରଥମ ସପ୍ତାହ ଯାଏଁ ହେବ ନିର୍ଧୁମ ବର୍ଷା । ଆଜି ଉତ୍ତର ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇହୋଇଛି । ଏହା ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ରୂପ ନେବ । ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୮ ଜିଲ୍ଲା ଅନୁଗୁଳ, ଢେଙ୍କାନାଳ,କେନ୍ଦୁଝର, ମୟୂରଭଞ୍ଜ,  କଟକ, ଯାଜପୁର, କେନ୍ଦ୍ରାପଡା ଏବଂ ଜଗତସିଂହପୁରକୁ ସତର୍କତା ଜାରି କରାଯାଇଛି । ଏହିସବୁ ଜିଲ୍ଲାରେ ୭୦ରୁ ୨ଶହ ମିଲିମିଟର ଯାଏଁ ବର୍ଷାହେବ । ପ୍ରବଳ ବର୍ଷା ନେଇ ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କେନ୍ଦୁଝର ଏବଂ ମୟୂରଭଞ୍ଜକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, ଝାରସୁଗୁଡା, କୋରାପୁଟ ଏବଂ କାଲକାନଗିରିକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ । ୨୬ ତାରିଖରେ କେନ୍ଦୁଝର ଏବଂ ମୟୁରଭଞ୍ଜାରେ ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି । ୨୭ ଏବଂ ୨୮ ତାରିଖରେ ବର୍ଷା କମିବା ସହ ୨୯ ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ଅଗଷ୍ଟ ୩୧ ରୁ ସେପ୍ଟେମ୍ବର ୩ ତାରିଖ ପର୍ଯ୍ୟନ୍ତ ପୁଣି ନିର୍ଧୁମ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ସେପଟେ ଜୁନ ୧ ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକଠାରୁ ୧୧ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି ।