ଆଜି ୪ ଜିଲ୍ଲାରେ ଅତିପ୍ରବଳ ବର୍ଷା, ୨୪ ଘଣ୍ଟାରେ ଲୋ’ ପ୍ରେସର

1 min read

ଭୁବନେଶ୍ବର: ଘନୀଭୁତ ହେଉଛି ଲଘୁଚାପ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଓ୍ବେଲମାର୍କ ଲୋପ୍ରେସରର ରୂପ ନେବ । ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି ପଶ୍ଚମବଙ୍ଗ-ଉତ୍ତର ଓଡ଼ିଶା ଦେଇ ଝାଡଖଣ୍ଡ ମୁହାଁ ହେବ । ପ୍ରଭାବରେ ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ଯରେ ବର୍ଷା ଜାରି ରହିବ । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ ଏବଂ ଝାରସୁଗୁଡାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

ଏସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ଯନ୍ତ ବର୍ଷା ହେବ । ୧୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର, କଟକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗୀର, ନୂଆପଡାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସବୁ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ବର୍ଷା ନେଇ ଆକଳନ କରାଯାଇଛି । କାଲି ବର୍ଷାର ପରିମାଣ କମି ୨୮ରୁ ପୁଣି ଆରମ୍ଭ ହେବ ।

୨୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ । ପ୍ରଭାବରେ ସେପ୍ଟେମ୍ବର ୩ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ । ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ସମୁଦ୍ର ମଧ୍ୟରେ ପବନର ବେଗ ଅଧିକ ରହିବ । ସମୁଦ୍ର ଅଶାନ୍ତ ହେଉଥିବାରୁ ଆସନ୍ତା ୪୮ ଘଣ୍ଟା ପର୍ଯ୍ଯନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ପାଣିପାଗ କେନ୍ଦ୍ରର ସତର୍କତା ପରେ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସ୍ଆରସି । ସ୍ଥିତି ଉପରେ ନଜର ରଖିବା ସହ ଜଳ ନିଷ୍କାସନ କରିବାର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ଜାରି ରହିଥିବାରୁ ବଢୁଛି ଜଳସ୍ତର । ବର୍ତ୍ତମାନ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଥିବା ବେଳେ ପୁଣି ଚଳମୁଣ୍ଡରେ ଥିବା ନଦୀର ଜଳସ୍ତର ବଢିବା ସହ ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି ।