ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି, ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ବର୍ଷା ଜାରି

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ପ୍ରବଳ ବର୍ଷା। କେଉଁଠି ତୁହାକୁ ତୁହା ବର୍ଷା ତ କେଉଁଠି ଘଡଘଡି ବିଜୁଳି ସହ ବର୍ଷା ଜାରି ରହିଛି। ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଏଭଳି ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୂଳରେ ସକ୍ରିୟ ରହିଛି। ପ୍ରଭାବରେ ଆଜି ପ୍ରବଳ ବର୍ଷା ନେଇ ୫ଟି ଜିଲ୍ଲାକୁ ସତର୍କତା ଜାରି ହୋଇଛି । କାଲିଠୁ ବର୍ଷାର ପରିମାଣ କମିଲେ ମଧ୍ୟ ବଜ୍ରପାତ ଜନିତ ବର୍ଷା ଜାରି ରହିବ।

ବିଶେଷ କରି ଉପକୂଳ ଓଡ଼ିଶା ସମେତ ଉତ୍ତର ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ଘଡଘଡି ବିଜୁଳି ସହ ବର୍ଷା ହେବ। ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ। ସେହିଭଳି ଜୁନ ୧ ତାରିଖରୁ ଏପର୍ଯ୍ୟନ୍ତ ସ୍ବାଭାବିକଠାରୁ ୭ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ୨୧ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ, କେବଳ ମାଲକାନଗିରି ଜିଲ୍ଲାରେ ସ୍ବାଭାବିକ ଠାରୁ ଅଧିକ ବର୍ଷା ହୋଇଛି। ୮ ଟି ଜିଲ୍ଲାରେ ଏବେ ବି ୧୯ ରୁ ୫୯ ପ୍ରତିଶତ ପର୍ଯ୍ୟନ୍ତ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି। ସେପଟେ ଦେଶର କିଛି ରାଜ୍ୟରୁ ଫେରୁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏଯାଏଁ ଫିରୋଜପୁର, ସିରସା, ଆଜମେର, ଚୁରୁ, ମାଉଣ୍ଟଆବୁ, ଦିଶା, ସୁରେନ୍ଦ୍ରନଗର ଏବଂ ଜୁନାଗଡରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିଛି।