ଆଜି ଦୀପାବଳି ଅମାବାସ୍ୟା, ଶ୍ରୀକ୍ଷେତ୍ରରେ ପୟାଶ୍ରାଦ୍ଧ ପକାଇବେ ଶ୍ରଦ୍ଧାଳୁ

ପୁରୀ: ଆଜି ପବିତ୍ର ଦୀପାବଳି ଅମାବାସ୍ୟା । ଶ୍ରୀକ୍ଷେତ୍ରରେ ପୟାଶ୍ରାଦ୍ଧ ବା ବଡ଼ବଡୁଆଙ୍କୁ ଡାକିବେ ଶ୍ରଦ୍ଧାଳୁ । ଏଥିପାଇଁ ପୁରୀରେ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ଜଗା ଦର୍ଶନ ସହ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିର ନିକଟରେ କାଉଁରିଆ କାଠି ଜାଳିବେ ଦର୍ଶନାର୍ଥୀ ।

ଆଶ୍ୱିନ କୃଷ୍ଣ ପ୍ରତିପଦା ଠାରୁ ପିତୃପକ୍ଷରେ ମର୍ତ୍ତ୍ୟଲୋକରୁ ଆସିଥିବା ପିତୃପୁରୁଷଙ୍କୁ ଆଜି ଦୀପାବଳିରେ ଆଲୋକର ମାର୍ଗ ଦେଖାଇ ମେଲାଣି ଦେବାର ବିଧି ରହିଛି । କାଉଁରିଆ କାଠି ଜାଳି ବଡ଼ବଡୁଆ ଡାକନ୍ତି ଶ୍ରଦ୍ଧାଳୁ । ଆଜି ଶ୍ରୀମନ୍ଦିର ନିକଟରେ କାଉଁରିଆ କାଠି ଜାଳିବାର ପରମ୍ପରା ରହିଛି । ବିଧି ମୁତାବକ ଫଳ, ଫୁଲ, ଚନ୍ଦନ ଆଦି ଦ୍ରବ୍ୟରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଳୁମାନେ ଶ୍ରାଦ୍ଧ ଦାନ କରିଛନ୍ତି । ପୋଲିସ ଓ ଅଗ୍ନିଶମ ବାହିନୀ ତରଫରୁ କଡା ସୁରକ୍ଷା ଏବଂ ବ୍ୟାରିକେଡ କରାଯାଇଛି । ଜଗା ଦର୍ଶନ ସହ ପୟାଶ୍ରାଦ୍ଧ ପାଇଁ ଲୋକାରଣ୍ୟ ହୋଇଛି ଶ୍ରୀକ୍ଷେତ୍ର ଓ ଶ୍ରୀମନ୍ଦିର ।