ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟରେ ଅନୁଭୂତ ହେବ ଘନକୁହୁଡି

1 min read

ଭୁବନେଶ୍ବର: କାଲି ପର୍ଯ୍ୟନ୍ତ ରାଜ୍ୟରେ ଅନୁଭୂତ ହେବ ଘନକୁହୁଡି । ଆଭ୍ୟନ୍ତରୀଣ ଓଡ଼ିଶାରେ ଘନ କୁହୁଡି ପ୍ରବାହିତ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏନେଇ ୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି ସୁନ୍ଦରଗଡ, କେନ୍ଦୁଝର, ଝାରସୁଗୁଡା, ନୟାଗଡ, କନ୍ଧମାଳ ଏବଂ କଳାହାଣ୍ଡି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୫୦ ମିଟର ତଳକୁ ଖସିଆସିବ ଦୃଶ୍ୟମାନ କ୍ଷମତା । କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ରହିବ ବୋଲି ଚେତାଇ ଦେଇଛି ପାଣିପାଗ କେନ୍ଦ୍ର ।

ତେଣୁ ଘାଟି ରାସ୍ତା, ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଯାତାୟାତ ବେଳେ ସାବଧାନତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି । ଆସନ୍ତା ୬ ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବା ସହ ୪ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ବୋଲି ପାଣିପାଗ କେନ୍ଦ୍ର କହିଛି । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ କିନ୍ତୁ ଆଜି ଓ କାଲି ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ । ଏହାସହ ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ କିଛି ଥଣ୍ଡା ପବନ ପ୍ରବାହିତ ହୋଇପାରେ । ଏହା ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ଶୀତ ଲହରୀ ସ୍ଥିତି ଉପୁଜିବା ସହ ତାପମାତ୍ରା ୧୦ ଡିଗ୍ରୀ ତଳକୁ ଖସିପାରେ ବୋଲି ଅନୁମାନ କରାଯାଉଛି ।