ନନ୍ଦିଘୋଷ ବ୍ୟୁରୋ :ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା। ପ୍ରବଳ ବୃଷ୍ଟିପାତ ଆଶଙ୍କାରେ ସାରା ରାଜ୍ୟକୁ ଆଲର୍ଟରେ ରଖାଯାଇଛି। ଆସନ୍ତା ସେପ୍ଟେମ୍ବର ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବା ନେଇ ପୂର୍ବାନୁମାନ କରାଯାଇଛି। ପ୍ରବଳ ବର୍ଷା ପାଇଁ ୪ଟି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ, ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୨୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକରେ ବିଜୁଳି ଓ ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।
ସେହିପରି କଟକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକରେ ବିଜୁଳି ଓ ଘଡ଼ଘଡ଼ି ସହ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଆକଳନ କରାଯାଇଛି। ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକରେ ମଧ୍ୟ ବିଜୁଳି ଓ ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଟକା ପବନ ବହିବା ସହ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏପଟେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ବାରଣ କରାଯାଇଛି।

