ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲି ନେବ ଲଘୁଚାପ ରୂପ

ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆସନ୍ତା ୮ ତାରିଖ ସକାଳ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ୯ ତାରିଖରେ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ପରେ ଅଧିକ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହୋଇପାରେ ବୋଲି କହିଛି ଭାରତୀୟ ପାଣିପାଗ ବିଭାଗ । ୮ ତାରିଖ ପରେ ବାତ୍ୟାର ତୀବ୍ରତା ଓ ଗତିପଥ ସମ୍ପର୍କରେ ସ୍ପଷ୍ଟ ଚିତ୍ର ମିଳିପାରିବ ବୋଲି କହିଛି ପାଣିପାଗ ବିଭାଗ । ନିର୍ଦ୍ଦିଷ୍ଟ କେଉଁ ଅଞ୍ଚଳକୁ ସମ୍ଭାବ୍ୟ ବାତ୍ୟା ପ୍ରଭାବିତ କରିବ ସେନେଇ ସ୍ପଷ୍ଟ ସୂଚନା ମିଳିପାରିନି । ଦକ୍ଷିଣ ପୂର୍ବ ବଙ୍ଗୋପସାଗର, ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସର୍ବାଧିକ ୬୦ କିଲୋମିଟର ବେଗରେ ପବନ ବହିପାରେ । ଆଣ୍ଡାମାନ ଓ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସର୍ବାଧିକ ୭୦ କିଲୋମିଟର ବେଗରେ ପବନ ସହିତ ପ୍ରବଳ ବର୍ଷା ହେବ । ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

ଅନ୍ୟପକ୍ଷରେ ଓଡ଼ିଶା ଉପରେ ପଡ଼ିବନି ସମ୍ଭାବ୍ୟ ବାତ୍ୟାର ପ୍ରଭାବ । ୮ ତାରିଖରୁ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବ । ଆଭ୍ୟନ୍ତରୀଣ ଓଡ଼ିଶାରେ ୪୦ ଡିଗ୍ରୀ ଛୁଇଁପାରେ ତାତି । କାଳବୈଶାଖୀର ପ୍ରଭାବ କମିବା ସହିତ ତାତି ବୃଦ୍ଧି ପାଇବ । ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାକୁ କାଳବୈଶାଖୀ ସତର୍କତା କରାଯାଇଛି । ଉପକୂଳ ଓଡ଼ିଶାର ଗୋଟିଏ କି ଦୁଇଟି ସ୍ଥାନରେ ବର୍ଷା ହେବ ।