ଶେଷ ହୋଇଛି ସୁନାବେଶ, ଆଜି ରଥ ଉପରେ ଅନୁଷ୍ଠିତ ହେବ ଅଧରପଣା ନୀତି

ପୁରୀ: ଶେଷ ହୋଇଛି ଶ୍ରୀଜିଉଙ୍କ ସୁନାବେଶ । ଆଜି ରଥ ଉପରେ ଅନୁଷ୍ଠିତ ହେବ ଅଧରପଣା ନୀତି । ମଧ୍ୟାହ୍ନ ଧୂପ ଶେଷ ହେବାପରେ ଓ ସନ୍ଧ୍ୟା ଆଳତି ପୂର୍ବରୁ ଏହି ନୀତି ଅନୁଷ୍ଠିତ ହୋଇଥାଏ । ପ୍ରତି ରଥରେ ଶ୍ରୀଜିଉମାନଙ୍କ ଅଧର ଉଚ୍ଚର ହାଣ୍ଡିରେ ପଣା ପ୍ରସ୍ତୁତ ହୁଏ । ସିଂହଦ୍ୱାର ସମ୍ମୁଖ ଛାଉଣୀ ମଠ କୂଅ ପାଣିରେ ପଣା ପ୍ରସ୍ତୁତ ହେବ । ପଣା ପ୍ରସ୍ତୁତିରେ ସର, କଦଳୀ, ଛେନା, ଗୋଲମରିଚ, ଗୁଣ୍ଡ କର୍ପୁର, ଜାଇଫଳ ଆଦି ସାମଗ୍ରୀ ବ୍ୟବହୃତ ହୋଇଥାଏ ।
ପ୍ରତି ରଥରେ ୩ଟି ଲେଖାଏଁ ମାଟି ହାଣ୍ଡିରେ ଅଧର ପଣା ଭୋଗ କରାଯାଇଥାଏ । ଏହି ୯ ହାଣ୍ଡି ପଣାକୁ ପୂଜାପଣ୍ଡା ସେବକମାନେ ପଞ୍ଚୋପଚାର ପଦ୍ଧତିରେ ଶ୍ରୀବିଗ୍ରହମାନଙ୍କୁ ଅର୍ପଣ କରିଥାନ୍ତି । ଭୋଗ ହେବା ପରେ ପଣା ଥିବା ହାଣ୍ଡିଗୁଡ଼ିକୁ ରଥ ଉପରେ ଭାଙ୍ଗି ଦିଆଯାଏ । ରଥଗୁଡ଼ିକରେ ଥିବା ପାର୍ଶ୍ଵ ଦେବାଦେବୀ, ଚଣ୍ଡିଚାମୁଣ୍ଡା ତଥା ଅଶରୀରୀମାନଙ୍କ ଉଦ୍ଧାର ନିମନ୍ତେ ପଣା ହାଣ୍ଡି ସବୁକୁ ଭୋଗ ହେବା ପରେ ଭାଙ୍ଗି ଦିଆଯିବାର ବିଧି ରହିଛି । ପଣା ହାଣ୍ଡି ଭାଙ୍ଗିଲେ ପଣା ସବୁ ରଥତଳକୁ ବୋହିଯାଏ । ତାହାକୁ ଅନ୍ୟ ଦେବାଦେବୀ, ଭୂତପ୍ରେତ ପାଇଥାନ୍ତି ବୋଲି କୁହାଯାଏ ।