ରାଜ୍ୟରେ ସକ୍ରିୟ ଘୂର୍ଣ୍ଣିବଳୟ, ବିଭିନ୍ନ ଜିଲ୍ଲାରେ ଜାରି ରହିଛି ପ୍ରବଳ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର ଓଡ଼ିଶା ଏବଂ ଏହାର ଆଖପାଖରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ଜାରି ରହିଛି । ଏହା ସହ ମୌସୁମୀ ଟ୍ରପଲାଇନ୍ ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିଛି । ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳ ବର୍ଷା ପାଇଁ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲିଠୁ ୧୧ ତାରିଖ ପର୍ଯ୍ୟନ୍ତ ଉପକୂଳ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୯ ଓ ୧୩ ତାରିଖରେ ଆଉ ଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଥମ ଲଘୁଚାପ ପ୍ରଭାବରେ କାଲିଠୁ ୧୦ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ପରେ ୧୩ ତାରିଖରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ୧୫ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ର ନାଥ ପଶୁପାଳକ  ।

ସେପଟେ ଏବେ ସୁଦ୍ଧା ରାଜ୍ୟରେ ୧୦ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ୧୯ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି । ତେବେ ସ୍ୱାଭାବିକ ଭାବେ ଜୁଲାଇ ମାସରେ ୩ଟି ଲଘୁଚାପ ସହ ୨ଟି ଅବପାତ ସୃଷ୍ଟି ହେବା କଥା। କିନ୍ତୁ ଚଳିତ ମାସରେ ତାହା ସମ୍ଭବ ହେଉଛି କି ନାହିଁ ତା ଉପରେ ନଜର ରହିଛି ।