ତିନିବର୍ଷରେ ସବୁ ବସ୍ତି  ହେବ ଆଦର୍ଶ କଲୋନୀ, ବାଲେଶ୍ୱରରୁ ଅଭିଯାନ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

1 min read

ଭୁବନେଶ୍ୱର: ରାଜ୍ୟରେ ଥିବା ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ  ସୋମବାର ଘୋଷଣା କରିଛନ୍ତି। ଆଜି ଫକୀରମୋହନଙ୍କ ଭୂମି, ଓଡିଆ ଭାଷା ସୁରକ୍ଷା ଭୂମି ବାଲେଶ୍ୱରରୁ ବସ୍ତି ଉନ୍ନତୀକରଣ ଯୋଜନାର ଶୁଭାରମ୍ଭ କରାଯାଇଛି । ଏହି ଜନହିତକର କାର୍ଯ୍ୟ କରି  ମୁଖ୍ୟମନ୍ତ୍ରୀ କହିଥିଲେ ଯେ,  ସହରର ବିକାଶ ଠାରୁ ଆରମ୍ଭ କରି କୋଭିଡ ଲଢେଇ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ବସ୍ତିର ଗରିବ ଲୋକମାନେ ଆଗରେ ରହି କାମ କରୁଛନ୍ତି। ତେଣୁ ବିକାଶ ଉପରେ ମଧ୍ୟ ସେମାନଙ୍କର ସମାନ ଅଧିକାର ରହିଛି । ବସ୍ତିଗୁଡିକରେ ବିଜୁଳି, ଭଲ ପିଇବା ପାଣି, ରାସ୍ତା, ଗୋଷ୍ଠୀକେନ୍ଦ୍ର ଆଦି ନାଗରିକ ସୁବିଧାର ବିକାଶ କରି ବସ୍ତିର ଲୋକମାନଙ୍କ ଜୀବନଧାରଣ ମାନରେ ଉନ୍ନତି ଆଣାଯିବ  । ଏଥିସହିତ ଜୀବିକା ପାଇଁ ମଧ୍ୟ ସୁଯୋଗ ସୃଷ୍ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମତ ରଖିଛନ୍ତି ।

ଅତୀତରେ ରାଜ୍ୟ ସରକାରଙ୍କ ଜାଗା ମିଶନ ସାରା ଦେଶରେ ଇତିହାସ ସୃଷ୍ଟି କରିଥିଲା। ଏପରିକି ଏହି କାର୍ଯ୍ୟକ୍ରମ ବିଶ୍ୱ ସମୁଦାୟର ମଧ୍ୟ ଦୃଷ୍ଟି ଆକର୍ଷଣ କରିପାରିଥିଲା । ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ କୋଭିଡ ନିୟମାବଳୀ ପାଳନ କରିବା ପାଇଁ ଅନୁରୋଧ କରିଥିଲେ।   ବାଲେଶ୍ୱରର ୪୧ଟି ବସ୍ତିର ୨୦୫୪ ଜଣଙ୍କୁ ଏବଂ ସାରା ରାଜ୍ୟରେ ୧,୦୫,୦୦୦ Land Entitlement Certificate  ଆବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ ମଧ୍ୟ କରାଯାଇଛି ।  ପୂର୍ବରୁ ୬୦ ହଜାର ବସ୍ତି ଲୋକଙ୍କୁ LEC ପ୍ରଦାନ କରାଯାଇଛି।  ଆଗାମୀ ୩ ମାସ ମଧ୍ୟରେ ୧ ଲକ୍ଷ ୬୫ ହଜାରରୁ ଅଧିକ ଲୋକ LEC ପାଇବେ। ସୂଚନାଯୋଗ୍ୟ ଯେ ସାରା ରାଜ୍ୟର ୧୦୧ଟି ପୌରାଞ୍ଚଳର ୧୭୧୮ଟି ବସ୍ତିର ସାଢେ ଚାରି ଲକ୍ଷ ଲୋକ Land Entitlement Certificate  ଦ୍ୱାରା ଉପକୃତ ହେବେ ବୋଲି ଜଣାପଡିଛି।

 

ଏହି ଅବସରରେ ମୁଖ୍ୟମନ୍ତ୍ରୀ ୧୧୬ଟି ବହୁମୁଖୀ ଗୋଷ୍ଠୀ କେନ୍ଦ୍ର ‘ପରିଚୟ’ ର ମଧ୍ୟ ଲୋକାର୍ପଣ କରିଥିଲେ। ୪୦୦ଟି ପରିଚୟ ବହୁମୁଖୀ ଗୋଷ୍ଠୀକେନ୍ଦ୍ର ନିର୍ମାଣାଧୀନ ଅଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବସ୍ତି ଉନ୍ନତୀକରଣ କାର୍ଯ୍ୟକ୍ରମର (Slum Upgradation Programme) ଶୁଭାରମ୍ଭ କରିଛନ୍ତି ।  ଏହାର SOP document ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉନ୍ମୋଚିତ କରାଯାଇଛି ।   ଏଥିପାଇଁ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ତଥା ଦିଲ୍ଲୀସ୍ଥିତ Centre for Policy Research  ମଧ୍ୟରେ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଥିଲା।  ଏହି ସଂସ୍ଥା କାର୍ଯ୍ୟକ୍ରମର Knowledge partner ଭାବରେ ସହାୟତା ଯୋଗାଇ ଦେବ ବୋଲି ଜଣାପଡିଛି । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ନଗର ଉନ୍ନୟନ ଓ ଗୃହନିର୍ମାଣ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା କହିଥିଲେ ଯେ, ସହରର ଅନ୍ୟ ଅଞ୍ଚଳ ସହିତ ବସ୍ତି ଉନ୍ନତିକରଣ ଯୋଜନା ଓ ତାଲିକା ପ୍ରସ୍ତୁତ ହୋଇସାରିଛି ।

ବର୍ତ୍ତମାନ ବସ୍ତିର ଜନସାଧାରଣ ସହରର ଅନ୍ୟ ଅଞ୍ଚଳ ପରି ସମାନ ସୁବିଧା ଓ ସମାନ ଅଧିକାର ପାଇପାରିବେ। ଗରିବ ଲୋକଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ୱପାଇଁ ସେ ଧନ୍ୟବାଦ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଜି. ମାଥିଭାତନନ୍ ସ୍ୱାଗତ ଭାଷଣ ଦେଇ କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଦେଇଥିଲେ। ଜାଗା ମିଶନର ନିର୍ଦ୍ଦେଶକ ସଂଗ୍ରାମଜିତ୍‌ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ସେହିପରି ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ,  ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଏବଂ  ଅର୍ଥ ବିଭାଗ ପ୍ରମୁଖ ସଚିବ ଅଶୋକ କୁମାର ମୀନା ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ରହିଥିଲେ ।

Leave a Reply