ବିଜେପି ବିରୋଧରେ ପୁଣି ମେଳି, ଷ୍ଟାଲିନଙ୍କୁ ଭେଟିଲେ କେଜ୍ରିଓ୍ବାଲ

ଚେନ୍ନାଇ: ବିଜେପି ବିରୋଧରେ ପୁଣି ମେଳି। ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ. ଷ୍ଟାଲିନଙ୍କୁ ଭେଟିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ। ଦିଲ୍ଲୀରେ କେନ୍ଦ୍ରର ଅଧ୍ୟାଦେଶକୁ ରାଜ୍ୟସଭାରେ ବିରୋଧ ପାଇଁ କେଜ୍ରିଓ୍ବାଲ ମାଗିଥିବା ସମର୍ଥନକୁ ଗ୍ରୀନ ସିଗନାଲ ଦେଇଛନ୍ତି ଷ୍ଟାଲିନ । ଏହି ସାକ୍ଷାତ କାର୍ଯ୍ୟକ୍ରମରେ ବି ଉପସ୍ଥିତ ଥିଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ।

କେନ୍ଦ୍ରର ଅସାମ୍ବିଧାନିକ ଓ ଗଣତନ୍ତ୍ର ବିରୋଧୀ ଅଧ୍ୟାଦେଶ ବିରୋଧରେ ସମର୍ଥନ ଦେବାକୁ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଦଳ ମୁଖ୍ୟଙ୍କୁ ଭେଟୁଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ। ପୂର୍ବରୁ ବିହାର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ କେଜ୍ରିଓ୍ବାଲ ଭେଟିଥିବା ବେଳେ ସେମାନେ କେନ୍ଦ୍ର ବିରୋଧରେ ଆପ୍ କୁ ସମର୍ଥନ ଦେଇଥିବା ଘୋଷଣା କରିଛନ୍ତି।

ସେହିପରି ଏନସିପି, ଶିବସେନା ଉଦ୍ଧବ ଗୋଷ୍ଠୀ, ସିପିଆଇଏମ ସୁପ୍ରିମୋ ମଧ୍ୟ ଆମ ଆଦମୀ ପାର୍ଟିକୁ ସମର୍ଥନ ଜଣାଇଛନ୍ତି। ଗତ ମେ ୧୯ ତାରିଖରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ଦିଲ୍ଲୀରେ ଏକ ଅଧ୍ୟାଦେଶ ପାସ୍ କରିଥିଲେ କେନ୍ଦ୍ର ସରକାର। ସରକାରୀ କର୍ମଚାରୀଙ୍କ ନିଯୁକ୍ତି ଓ ବଦଳି କ୍ଷମତା ନିର୍ବାଚିତ ସରକାରଙ୍କର ବୋଲି ସୁପ୍ରିମକୋର୍ଟ ରାୟ ଦେବା ପରେ କେନ୍ଦ୍ର ଏହି ଅଧ୍ୟାଦେଶ ଜାରି କରିଥିଲେ। ଆସନ୍ତାକାଲି ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ମଧ୍ୟ କେଜ୍ରିଓ୍ବାଲ ଭେଟିବା କାର୍ଯ୍ୟକ୍ରମ ରହିଛି।