ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ବଢ଼ିଲା ଆଶାକର୍ମୀଙ୍କ ଦରମା
1 min read
ଭୁବନେଶ୍ବର: ବଢିଲା ଆଶା କର୍ମୀଙ୍କ ଦରମା । ଆଶା କର୍ମୀମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କଲେ ରାଜ୍ଯ ସରକାର । ମାସିକ ପାରିଶ୍ରମିକ ୪ ହଜାର ୫୦୦ ଟଙ୍କାରୁ ୭ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ଏନେଇ ଘୋଷଣା କରିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ଆଶା କର୍ମୀଙ୍କର ସେବା ନିବୃତ୍ତି ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରିଛନ୍ତି । ସେବା ନିବୃତ୍ତି ସମୟରେ ପୂର୍ବରୁ ସେମାନେ ୫୦ ହଜାର ଟଙ୍କା ପାଉଥିବା ବେଳେ ବର୍ତ୍ତମାନ ୧ ଲକ୍ଷ ଟଙ୍କା ପାଇବେ । ସେମାନଙ୍କ ପାରିଶ୍ରମିକ ବାବଦରେ ପୂର୍ବରୁ ରାଜ୍ୟ ସରକାର ବାର୍ଷିକ ୫୯ ଦଶମିକ ୪୩ କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏବେ ବାର୍ଷିକ ୨୦୮ କୋଟି ଟଙ୍କା ଖର୍ଚ୍ଚ କରିବେ। ସେହିଭଳି ସେବା ନିବୃତ୍ତି ସହାୟତା ବାବଦରେ ୫୫ ଲକ୍ଷ ଟଙ୍କା ରାଜ୍ୟ ସରକାର ବ୍ୟୟ ବହନ କରିବେ । ଏହାଦ୍ବାରା ରାଜ୍ୟର ୪୯ ହଜାର ୫୨୨ ଆଶା କର୍ମୀ ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୧୪୮ଦଶମିକ ୫୭ କୋଟି ଟଙ୍କା ଖର୍ଚ୍ଚ କରିବେ । 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ଆଶା କର୍ମୀ ତଥା ସେମାନଙ୍କ ସଙ୍ଗଠନ ଗୁଡିକ ତାଙ୍କୁ ଭେଟି ଏହି ପାରିଶ୍ରମିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ । ଆଶା କର୍ମୀମାନେ ରାଜ୍ୟରେ ଗର୍ଭବତୀ ଓ ପ୍ରସୂତୀ ମହିଳାଙ୍କ ସହାୟତା ପାଇଁ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରି ଆସୁଛନ୍ତି। ଗର୍ଭବତୀ ଓ ପ୍ରସୂତୀ ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ସରକାରୀ ଯୋଜନା ସଂପର୍କରେ ସେମାନେ ସଫଳ ଭାବେ ସଚେତନ କରିପାରୁଛନ୍ତି।