୧୮ ତାରିଖରେ ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ କରିବ ଏଏସଆଇ

ପୁରୀ : ଆସନ୍ତା ୧୮ ତାରିଖରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ କରିବ ଏଏସଆଇ । ଏଏସଆଇ ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ପ୍ରାରମ୍ଭିକ ନିରୀକ୍ଷଣ ଏବଂ ବୈଷୟିକ ଯାଞ୍ଚ କରାଯିବ । ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଅନୁସାରେ ଏହି କାର୍ଯ୍ଯ କରାଯିବ । ଶ୍ରୀଜୀଉଙ୍କ ନୀତିକାନ୍ତି ବା ସେବାପୂଜାରେ ବ୍ୟାଘାତ ନକରି ନିରୀକ୍ଷଣ ପ୍ରକ୍ରିୟା ପାଇଁ ଆବଶ୍ୟକ ସମୟ ଦେବା ଲାଗି ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି  । ୧୮ ତାରିଖ ଦିନ ଗୋଟାଏରୁ ଯାଞ୍ଚ କାର୍ଯ୍ଯ ସରିବା ପର୍ଯ୍ଯନ୍ତ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ । ମହାପ୍ରସାଦ କ୍ରୟ କରିବାକୁ ଚାହିଁଲେ ସିଂହଦ୍ଵାର ଦେଇ ଆନନ୍ଦ ବଜାରରୁ ଯାଇହେବ । ଉତ୍ତର ଦ୍ୱାର ପଟେ ଶ୍ରଦ୍ଧାଳୁମାନେ ପ୍ରସ୍ଥାନ କରିପାରିବେ । ପୂର୍ବରୁ ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମକୁ ସ୍ଥାନାନ୍ତରିତ ହୋଇସାରିଛି । ଏହାଛଡ଼ା ରତ୍ନଭଣ୍ଡାରରୁ ଖାଲି ଆଲମିରା ଓ ସିନ୍ଦୁକ ମଧ୍ଯ ସ୍ଥାନାନ୍ତରିତ କରାଯାଇଛି ।  ଏହାପରେ ସଂରକ୍ଷଣ ତଥା ମରାମତି କାର୍ଯ୍ଯ ହାତକୁ ନେବାକୁ ଏଏସଆଇକୁ ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ କରିଥିଲେ । ତେବେ ମରାମତି ପୂର୍ବରୁ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ସର୍ଭେ କରାଯିବାକୁ ଅନୁରୋଧ କରାଯାଇଥିଲା  । ଯେପରି ଶ୍ରୀମନ୍ଦିର ଉପରେ କୌଣସି ପ୍ରତିକୂଳ ପ୍ରଭାବ ନ ପଡିବ ସେଥିପ୍ରତି ଧ୍ୟାନ ଦେବାକୁ କୁହାଯାଇଥିଲା  । ବୈଷୟିକ ଯାଞ୍ଚ ପରେ ଏଏସଆଇ ରତ୍ନଭଣ୍ଡାରର ସଂରକ୍ଷଣ ଓ ମରାମତି କାର୍ଯ୍ଯ ଶୀଘ୍ର ସାରିବାକୁ ମୁଖ୍ଯ ପ୍ରଶାସକ ଅନୁରୋଧ କରିଛନ୍ତି।