ଚାଷୀ ପ୍ରସଙ୍ଗରେ ବିଜେପିର ନାଟକବାଜିକୁ ଦେଖୁଛନ୍ତି ଓଡ଼ିଶାବାସୀ: ବିଜେଡି

1 min read

ଭୁବନେଶ୍ୱର: ଓଡ଼ିଶା ଚାଷୀଙ୍କ ସହ ଜଡ଼ିତ ବିଭିନ୍ନ ପ୍ରସଙ୍ଗରେ ରାଜ୍ୟବାସୀ ବିଜେପିର ନାଟକବାଜି, ମିଥ୍ୟା ପ୍ରଚାର ଓ ନକଲି କାରବାରକୁ ଦେଖୁଥିବା କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର । ସେ କହିଛନ୍ତି ଗତକାଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପଦମପୁରରେ ତାଙ୍କ ଅଭିଭାଷଣରେ ଅଭିଯୋଗ କରିଥିଲେ ଯେ ଓଡ଼ିଶା ସରକାର କାହିଁକି ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା କାର୍ଯ୍ୟକାରୀରେ ବୀମା କମ୍ପାନୀ ଭାବରେ HDFCକୁ ମନୋନୀତ କରିଛନ୍ତି ? ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ହିମାଚଳପ୍ରଦେଶ, କର୍ଣ୍ଣାଟକ, ଆସାମ, ତ୍ରିପୁରା ଏବଂ ମହାରାଷ୍ଟ୍ର ଭଳି ବିଜେପି ଶାସିତ ରାଜ୍ୟରେ ମଧ୍ୟ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ପାଇଁ ଏକ କାର୍ଯ୍ୟକାରୀ କମ୍ପାନୀ ଭାବରେ HDFCକୁ ବାଛିଛନ୍ତି । ଏହି ବିଜେପି ଶାସିତ ରାଜ୍ୟମାନେ ମଧ୍ୟ ଅନ୍ୟାୟ କରିଥିବା ସେ କହିବାକୁ ଚାହୁଁଛନ୍ତି କି ବୋଲି ଶ୍ରୀମୟୀ ପ୍ରଶ୍ନ କରିଛନ୍ତି ।

ଓଡ଼ିଶାର ଲୋକମାନେ ସତ କ’ଣ ଜାଣିବାକୁ ଚାହାନ୍ତି । ପିଏମଏଫବିଓ୍ୱାଇ ପାଇଁ ବୀମା ଏଜେନ୍ସିଗୁଡ଼ିକ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ ଜାତୀୟ ଟେଣ୍ଡର ଜରିଆରେ ମନୋନୀତ ହୋଇଛନ୍ତି ଏବଂ କେନ୍ଦ୍ର ସରକାରଙ୍କ ଦ୍ୱାରା ତାଲିକାଭୁକ୍ତ ହୋଇଛନ୍ତି । HDFC କେନ୍ଦ୍ର ସରକାରଙ୍କ ଦ୍ୱାରା ତାଲିକାଭୁକ୍ତ । କେନ୍ଦ୍ରମନ୍ତ୍ରୀ ଏହାକୁ ଅସ୍ୱୀକାର କରିପାରିବେ କି ?  ରାଜ୍ୟଗୁଡ଼ିକ କେବଳ ତାଲିକାଭୁକ୍ତ ବୀମା କମ୍ପାନୀଗୁଡ଼ିକ ମଧ୍ୟରେ ଟେଣ୍ଡର କରିଥାନ୍ତି । ଏହି ପ୍ରକ୍ରିୟା ସର୍ବତ ହୋଇଥାଏ । ଓଡ଼ିଶାରେ ମଧ୍ୟ ସମାନ ପ୍ରକ୍ରିୟା ଅନୁସରଣ କରାଯାଇଛି । ପିଏମଏଫବିଓ୍ୱାଇ ହେଉଛି ଏକ କେନ୍ଦ୍ରୀୟ ଯୋଜନା । ଏଥିପାଇଁ କେନ୍ଦ୍ର ସରକାରଙ୍କ ଦ୍ୱାର ବଜେଟ୍ ପାରିତ ହୋଇଛି ଏବଂ ଯେତେବେଳେ କୃଷକ ଏବଂ ବୀମା କମ୍ପାନୀ ମଧ୍ୟରେ ବିବାଦ ଦେଖାଦିଏ ସେ ସମୟରେ କେନ୍ଦ୍ର ସରକାର ହେଉଛନ୍ତି ’ ଆପିଲେଟ ଅଥରିଟୀ’ ।

ବର୍ତ୍ତମାନ ମାମଲାରେ ଆବେଦନ କେନ୍ଦ୍ର ସରକାରଙ୍କ ନିକଟରେ ବିଚାରଧୀନ ଅଛି । ଯଦି କେନ୍ଦ୍ରମନ୍ତ୍ରୀଙ୍କର କୃଷକଙ୍କ ପାଇଁ ପ୍ରକୃତ ଚିନ୍ତା ଅଛି । ତେବେ ସେ ମିଥ୍ୟା ପ୍ରଚାର କରିବା ପରିବର୍ତ୍ତେ ଓଡ଼ିଶାରେ କୃଷକମାନଙ୍କୁ ନ୍ୟାୟ ଦେବାପାଇଁ ତାଙ୍କ ସହଯୋଗୀ କେନ୍ଦ୍ର କୃଷିମନ୍ତ୍ରୀଙ୍କ ସହ କଥା ହେବା ଉଚିତ୍ ।

ବାସ୍ତବରେ ଆମ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀ ବାରମ୍ବାର କେନ୍ଦ୍ର ସରକାରଙ୍କ ନିକଟରେ ଏହି ପ୍ରସଙ୍ଗ ଉଠାଇ ଆସୁଛନ୍ତି । ଚାଷୀ ପ୍ରସଙ୍ଗରେ ବିଜେପି ଦ୍ୱାରା ପ୍ରଦର୍ଶିତ ହେଉଥିବା ନାଟକବାଜି ଏବଂ ମିଥ୍ୟାକୁ ଓଡ଼ିଶାର ଲୋକମାନେ ପସନ୍ଦ କରନ୍ତି ନାହିଁ । ଏଥିପାଇଁ ସେମାନଙ୍କୁ ଉପଯୁକ୍ତ ଜବାବ ଦେବେ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର ।