ପାଟଣାଗଡରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତୀ ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନିନ୍ଦା

ଭୁବନେଶ୍ବର : ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀ ପୋଡି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି ମୁଖ୍ୟମନ୍ତ୍ରୀ ।  ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ଠାରେ ଘଟିଛି ଏହି ଘଟଣା । ଏଥିରେ ସଂପୃକ୍ତ ଥିବା ବ୍ୟକ୍ତି ନିଶ୍ଚିତ ଭାବରେ ଜଣେ ହୀନ ଓ ରୁଗ୍‍ଣ ମାନସିକତାର ବ୍ୟକ୍ତି ହୋଇଥିବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।  ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି । ବର୍ତ୍ତମାନ ସୁଦ୍ଧା ଏ ଘଟଣାରେ ଜଣେ ବ୍ୟକ୍ତି ଗିରଫ ମଧ୍ୟ ହୋଇ ସାରିଛନ୍ତି । ଯଦି ଏହି ଘଟଣା ପଛରେ କିଛି ଷଡଯନ୍ତ୍ର ଥାଏ, ତେବେ ଏହାର ମଧ୍ୟ  ପର୍ଦ୍ଦାଫାସ୍   କରିବାକୁ ମୁଖ୍ୟମନ୍ତ୍ରୀ ଦୃଢ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟର ସମସ୍ତ ବରପୁତ୍ରଙ୍କୁ ରାଜ୍ୟ ସରକାର ସମ୍ମାନ ଦେବାରେ ବିଶ୍ୱାସ କରନ୍ତି  ଓ ପୂଜ୍ୟପୂଜା ପାଇଁ ସମସ୍ତ ପଦକ୍ଷେପ ନେଇ ଆସୁଛନ୍ତି । ବିଜୁବାବୁଙ୍କ ପ୍ରତି ତାଙ୍କର ବ୍ୟକ୍ତିଗତ ଭାବେ ଗଭୀର ସମ୍ମାନ ରହି ଆସିଛି ବୋଲି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ।