ଭରତପୁର ଲଜ୍ଜାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ଯମନ୍ତ୍ରୀ

ଭୁବନେଶ୍ବର: ଶେଷରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଦାବି ଆଗରେ ନଇଁଲେ ରାଜ୍ଯ ସରକାର । ଭରତପୁର ଲଜ୍ଜାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ଯମନ୍ତ୍ରୀ ମୋହନ ମାଝୀ । ରାତିଅଧରେ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରି ମୁଖ୍ଯମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ନ୍ୟାୟିକ ତଦନ୍ତ ହେବ ।

୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ମାନ୍ୟବର କମିଶନଙ୍କୁ ଅନୁରୋଧ କରାଯାଇଛି । ଏହାସହିତ ପ୍ରତ୍ୟକ୍ଷ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ବରାନ୍ବିତ କରିବା ପାଇଁ ମଧ୍ୟ ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଛି। ଉଚ୍ଚସ୍ତରୀୟ ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସହିତ ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବଙ୍କ ସହ ପୋଲିସ ମହାନିର୍ଦ୍ଦେଶକ ଓ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

ଭରତପୁର ଥାନାରେ କ୍ଯାପଟେନ ଓ ବାନ୍ଧବୀଙ୍କ ପ୍ରତି ପୋଲିସ ବର୍ବରତାର ଦୃଢ ନିନ୍ଦା କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସେନା ଅଧିକାରୀଙ୍କୁ ପୋଲିସର ନିର୍ଦ୍ଦୟ ବ୍ଯବହାର ସାରା ଦେଶକୁ ଦୋହଲାଇଦେଇଛି। ତୁରନ୍ତ ଘଟଣାର ବିଚାର ବିଭାଗୀୟ ତଦନ୍ତ ସହ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଲାଗି ଦାବି କରିଥିଲେ ନବୀନ ।