ଆବଶ୍ୟକ ପଡ଼ିଲେ ଆରଡିସି ସ୍ତରରେ ହେବ ଅଭିଯୋଗ ଶୁଣାଣି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବାକୁ କେବଳ ଭୁବନେଶ୍ବର ନୁହେଁ, ଆବଶ୍ୟକ ପଡ଼ିଲେ ଆରଡିସି ସ୍ତରକୁ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସାଧାରଣ ଲୋକଙ୍କ ସମସ୍ୟା ସମାଧାନ ଉପରେ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିରର ଦ୍ବିତୀୟ ସୋମବାରରେ ଆଜି ୧୭ ଶହ ଅଭିଯୋଗର ଶୁଣାଣି ହୋଇଛି ।

ମୁଖ୍ୟମନ୍ତ୍ରୀଙ୍କ ସମେତ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ଅଭିଯୋଗ ଶୁଣାଣି ଶିବିରରେ ଉପସ୍ଥିତ ରହି ଲୋକଙ୍କ ସମସ୍ୟା ଶୁଣିଥିଲେ । ଶିବିରରେ ସାଧାରଣ ପ୍ରଶାସନ ବିଭାଗର ସଚିବ ସୁରେନ୍ଦ୍ର କୁମାର, ପଞ୍ଚାୟତିରାଜ ସଚିବ ସୁଶୀଲ କୁମାର ଲୋହାନୀ, ଉଚ୍ଚଶିକ୍ଷା ସଚିବ ଅରବିନ୍ଦ ଅଗ୍ରଓ୍ବାଲଙ୍କ ସହିତ ଅନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ଏଣିକି ଜିଲ୍ଲା ସ୍ତରରେ ଚାଲିଥିବା ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମକୁ ଅଧିକ ସଶକ୍ତ କରାଯିବା ସହ ଆବଶ୍ୟକ ପଡ଼ିଲେ କେବଳ ଭୁବନେଶ୍ବରରେ ଶୁଣାଣି ନକରି ଆରଡିସି ସ୍ତରକୁ ଯାଇ ଲୋକଙ୍କ ଅଭିଯୋଗ ଶୁଣିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।