ନୀଳମାଧବ ପୀଠ ବିକାଶ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୦୦ କୋଟି ଟଙ୍କା ଅନୁମୋଦନ

1 min read

ଭୁବନେଶ୍ବର: କଣ୍ଟିଲୋ ନୀଳମାଧବ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନକୁ ଅନୁମୋଦ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଲେ ଅନୁମୋଦନ । ଖର୍ଚ୍ଚ ହେବ ୧୦୦ କୋଟି ଟଙ୍କା । ୧୮ ମାସ ମଧ୍ୟରେ ଶେଷ ହେବ କାମ । ସମନ୍ବିତ ଐତିହ୍ୟ ଓ କୀର୍ତ୍ତିରାଜି ବିକାଶ ଯୋଜନାରେ କାର୍ଯ୍ୟକାରୀ କରାଯିବ ଏହି ପ୍ରକଳ୍ପ । ପ୍ରକଳ୍ପର ସଫଳ କାର୍ଯ୍ୟକାରୀତା ନିମନ୍ତେ ସ୍ଥାନୀୟ ଜନସାଧାରଣ ଓ ସେବାୟତଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ନୀଳମାଧବ ପୀଠର ବିକାଶ ପାଇଁ ପ୍ରସ୍ତୁତ ମାଷ୍ଟର ପ୍ଲାନ ଉପରେ ବିଚାର ବିମର୍ଷ ହୋଇଥିଲା । ଏହାପରେ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଥିଲେ ।

ଜଗନ୍ନାଥ ସଂସ୍କୃତି ସହ ନୀଳମାଧବ ପୀଠର ନିବିଡ ସଂପର୍କ ରହିଛି । ବିଶ୍ବାସ କରାଯାଏ ଯେ ନୀଳମାଧବ ପୀଠ ବ୍ରହ୍ମାଦ୍ରୀ ପର୍ବତରେ ମହାପ୍ରଭୁ ନୀଳମଣି ଭାବରେ ଶବର ରାଜା ବିଶ୍ବାବସୁଙ୍କ ଦ୍ବାରା ପୂଜା ପାଉଥିଲେ । ମହାପ୍ରଭୁଙ୍କ ଏହି ଆଦିରୂପକୁ ଦର୍ଶନ କରିବା ପାଇଁ ପ୍ରତିଦିନ ହଜାର ହଜାର ଭକ୍ତ ନୀଳମାଧବ ପୀଠକୁ ଆସିଥାନ୍ତି । ବ୍ରହ୍ମାଦ୍ରୀ ପର୍ବତର ଉତ୍ତର ଦିଗରେ ମହାନଦୀର ଭୀମକାନ୍ତ ରୂପ ଅତ୍ୟନ୍ତ ରମଣୀୟ । ପର୍ଯ୍ୟଟକଙ୍କ ପାଇଁ ମଧ୍ୟ ଏହି ସ୍ଥାନ ଅନ୍ୟତମ ପ୍ରମୁଖ ଆକର୍ଷଣ । ଏହି ପବିତ୍ର ପୀଠର ସୁବ୍ୟବସ୍ଥିତ ବିକାଶ ଦ୍ବାରା ଭକ୍ତ ଓ ପର୍ଯ୍ୟଟକ ସହିତ ସ୍ଥାନୀୟ ଅଞ୍ଚଳର ଅର୍ଥନୈତିକ ବିକାଶରେ ମଧ୍ୟ ସହାୟକ ହେବ ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ସଚିବ ଭି.କେ. ପାଣ୍ଡିଆନ ଗତ ସପ୍ତାହରେ ନୀଳମାଧବ ପୀଠ ପରିଦର୍ଶନ କରି ବିକାଶ ଯୋଜନା ସଂପର୍କରେ ସେବାୟତ ତଥା ସ୍ଥାନୀୟ ଜନସାଧାରଣ ଓ  ଜିଲ୍ଲା ପ୍ରଶାସନ ସହ ବିସ୍ତୃତ ଆଲୋଚନା କରି ମାଷ୍ଟର ପ୍ଲାନ ପ୍ରସ୍ତୁତି ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହି ମାଷ୍ଟରପ୍ଲାନରେ ମୁଖ୍ୟତଃ ମନ୍ଦିରର ପୁନରୁଦ୍ଧାର, ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ପରିକ୍ରମା ପଥ, ଚନ୍ଦନ ପୁଷ୍କରିଣୀର ପୁନଃରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ସହିତ ଚତୁପାର୍ଶ୍ବ ରାସ୍ତାର ଉନ୍ନତୀକରଣ, ଛାୟାପ୍ରଦ ବୃକ୍ଷ,  ଉଦ୍ୟାନ, ପାର୍କିଂ, ମହାନଦୀ କୂଳର ସୁରକ୍ଷା ଓ ନଦୀପାର୍ଶ୍ବର ସୌନ୍ଦର୍ଯ୍ୟକରଣ ଆଦି ବିଷୟରେ ଗୁରୁତ୍ବ ଦିଆଯାଇଛି ।

ମନ୍ଦିରକୁ ଯାଇଥିବା ତିଖା ପାହାଚ ଶ୍ରେଣୀର ପୁନରୁଦ୍ଧାର କରାଯାଇ ଭକ୍ତ ସୁବିଧାରେ ଯାଇ ପାରିବା ଭଳି ବିକାଶ କରାଯିବା । ଏହାସହ ପୂର୍ବ, ପଶ୍ଚିମ, ଉତ୍ତର, ଦକ୍ଷିଣ ଚାରି ଦ୍ବାରର ଉନ୍ନତୀକରଣ କରାଯିବ । ବୟସ୍କ ଓ ଭିନ୍ନକ୍ଷମ ଭକ୍ତଙ୍କ ଦର୍ଶନ ସୁବିଧା ପାଇଁ ପଶ୍ଚିମ ଦ୍ବାରରେ ଲିଫ୍ଟ ଓ ସ୍କାଏ ବ୍ରିଜ୍ ସୁବିଧାର ବିକାଶ କରାଯିବ । ମନ୍ଦିର ପରିସର ଓ ଆଖପାଖ ଅଞ୍ଚଳରେ ଖଣ୍ଡାଲାଇଟ ପଥର ବିଛାଯିବା ସହିତ ମନ୍ଦିର ଓ ଠାକୁରଙ୍କ ବଗିଚାର ବିକାଶ କରାଯିବ । ଏହାସହିତ ରାସବିହାରୀ ମଣ୍ଡପ, ରଘୁନାଥ ମଠ ଓ ବାଟମଙ୍ଗଳା ମନ୍ଦିରର ମଧ୍ୟ ବିକାଶ କରାଯିବ ।

ଯାତ୍ରୀଙ୍କ ଜିନିଷପତ୍ର ରଖିବା ନିମନ୍ତେ ବ୍ୟବସ୍ଥା (Cloak Room) ଏବଂ ପଦ ପ୍ରକ୍ଷାଳନ ବ୍ୟବସ୍ଥାର ମଧ୍ୟ ନିର୍ମାଣ କରାଯିବ । ମନ୍ଦିରକୁ ପ୍ରବେଶ ପାଇଁ ପୂର୍ବ ପାର୍ଶ୍ବ ସଡକକୁ ୯ ମିଟର ଓ ପଶ୍ଚିମ ପାର୍ଶ୍ବ ସଡକକୁ ୧୨ ମିଟର ପ୍ରଶସ୍ଥ କରାଯିବ । ମହାନଦୀର କୂଳ କ୍ଷୟରୁ ମନ୍ଦିରକୁ ସୁରକ୍ଷା ଦେବା ପାଇଁ ୪ ଶହ ମିଟରର ସୁରକ୍ଷା ପ୍ରାଚୀର ନିର୍ମାଣ କରାଯିବ ।ପ୍ରକଳ୍ପ ପାଇଁ ସମୁଦାୟ ଦୁଇ ଏକର ଜମି ଆବଶ୍ୟକ ପଡିବ । ଏଥିନିମନ୍ତେ ଜିଲ୍ଲା ପ୍ରଶାସନ ପୁନର୍ବାସ ଓ ଥଇଥାନ ନୀତି ଅନୁଯାୟୀ ଜମି ଅଧିଗ୍ରହଣ କରିବେ । ପୂର୍ତ୍ତ ବିଭାଗ  ଜରିଆରେ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବ । ମହାନଦୀ  କୂଳ କ୍ଷୟ ରୋକିବା ପାଇଁ ସୁରକ୍ଷା ପ୍ରାଚୀର ଜଳସମ୍ପଦ ବିଭାଗ ନିର୍ମାଣ କରିବ ।

ବୈଠକକୁ 5T ସଚିବ ପରିଚାଳନା କରିଥିଲେ । ବୈଠକରେ ପୂର୍ତ୍ତ ବିଭାଗ ପ୍ରମୁଖ ସଚିବ ବୀର ବିକ୍ରମ ଯାଦବ ପ୍ରକଳ୍ପ ସଂପର୍କରେ ଉପସ୍ଥାପନା କରିଥିଲେ । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା, ଜଳ ସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ଅନୁ ଗର୍ଗ ଏବଂ ନୟାଗଡ ଜିଲ୍ଲପାଳ ପ୍ରମୁଖ ଉପସ୍ଥିତ ଥିଲେ ।