୭୩୦୦ ପଞ୍ଜିକୃତ ହକରଙ୍କୁ ୬୦୦୦ ଟଙ୍କା ଲେଖାଏ ସହାୟତା ପ୍ରଦାନ

1 min read
CM Naveen Patnaik Distributes Special Assistance To Hawkers

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଖବର କାଗଜ ହକର ମାନଙ୍କୁ ସେମାନଙ୍କର ହକ୍‌ ପ୍ରଦାନ କରିଛନ୍ତି । ସେମାନଙ୍କ ପାଇଁ ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇ ସେମାନଙ୍କୁ ସ୍ୱତନ୍ତ୍ର କୋଭିଡ୍ ସହାୟତା ପ୍ରଦାନ କରିବା ସହିତ ଅଣସଂଗଠିତ କ୍ଷେତ୍ର ସାମାଜିକ ସୁରକ୍ଷା ଯୋଜନାରେ ସାମିଲ କରିଛନ୍ତି । ଏହି ସହାୟତା ପାଇଁ ରାଜ୍ୟର ୭୩୦୦ ହକର ମାନଙ୍କ ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଡିଜିଟାଲ ଡାଟା ବେସ୍‌ ପ୍ରସ୍ତୁତ କରାଯାଇ ପଞ୍ଜିକୃତ କରାଯାଇଛି । ପ୍ରତ୍ୟେକ ପଞ୍ଜିକୃତ ହକର ୬୦୦୦ ଟଙ୍କା ଲେଖାଏ ସହାୟତା ପାଇଛନ୍ତି । ସମୁଦାୟ ୪ କୋଟି ୩୮ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି । ଏହା ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି । ଏହି ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯାଇଛି ।

CM Naveen Patnaik Distributes Special Assistance To Hawkers

ଏହି ସହାୟତା ପ୍ରଦାନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ହକର ମାନେ ହେଉଛନ୍ତି ଖବର କାଗଜ ଓ ପାଠକ ମାନଙ୍କ ମଧ୍ୟରେ ସେତୁ । ଖରା, ବର୍ଷା, ଶୀତ ସବୁ ସମୟରେ ଏପରିକି କୋଭିଡ୍ ମହାମାରୀ ସମୟରେ ମଧ୍ୟ ସେମାନେ ନିଜ ଦୁଃଖ କଷ୍ଟକୁ ଭୁଲି ପାଠକ ମାନଙ୍କୁ ଖବର କାଗଜ ଯୋଗାଇଛନ୍ତି । ଡିଜିଟାଲ ଯୁଗରେ ମଧ୍ୟ ଖବର କାଗଜର ଚାହିଦା କମି ନାହିଁ । କୋଭିଡ ସହାୟତା ସହିତ ହକର ମାନଙ୍କୁ ଅଣସଂଗଠିତ ସାମାଜିକ ସୁରକ୍ଷା ବୋର୍ଡରେ ସାମିଲ କରାଯାଇ ସାହାଯ୍ୟ ପ୍ରଦାନ କରାଯିବ । ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ୨ ଲକ୍ଷ ଟଙ୍କା, ସ୍ୱଭାବିକ ମୃତ୍ୟୁ କ୍ଷେତ୍ରରେ ୧ ଲକ୍ଷ ଟଙ୍କା ଏବଂ ଦୁର୍ଘଟଣାରେ ସମ୍ପୂର୍ଣ୍ଣ ଅକ୍ଷମ ହୋଇଥିବା ହକର ମାନଙ୍କ ପାଇଁ ମଧ୍ୟ ସହାୟତା ବ୍ୟବସ୍ଥା କରାଯାଇଛି । ହକର ମାନେ ସୁବିଧାରେ କାମ କରିବା ପାଇଁ ଜିଲ୍ଲାସ୍ତରରେ ୱାର୍କସେଡ୍‌ ନିର୍ମାଣ କରାଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏହା ନିର୍ମାଣ କରାଯିବ ।

CM Naveen Patnaik Distributes Special Assistance To Hawkers

ସୂଚନାଯୋଗ୍ୟ ଯେ ଦୁର୍ଘଟଣାଜନିତ ସମ୍ପୂର୍ଣ୍ଣ ଅକ୍ଷମତା ଯୋଗୁ ହକର ମାନଙ୍କୁ ଦେଢ ଲକ୍ଷ ଟଙ୍କା, ଉଭୟ ଅଙ୍ଗ ହରାଇଥିବା ହକର ମାନଙ୍କୁ ୮୦ ହଜାର ଓ ଗୋଟିଏ ଅଙ୍ଗ ହରାଇଥିବା ହକର ମାନଙ୍କୁ ୪୦ ହଜାର ଟଙ୍କା ପ୍ରଦାନ କରିବା ପାଇଁ ବ୍ୟବସ୍ଥା କରାଯାଇଛି । ଲୋକସେବା ଭବନ କନଭେନସନ ହଲରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ଜଳସମ୍ପଦ ଏବଂ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ କହିଛନ୍ତି,  ମୁଖ୍ୟମନ୍ତ୍ରୀ ଅନେକ ଜନକଲ୍ୟାଣ କାର୍ଯ୍ୟକ୍ରମ କରି ଓଡ଼ିଶା ପ୍ରଗତିର ନୂଆ ଇତିହାସ ଲେଖିଛନ୍ତି । ଆର୍ଥିକ ଦୂରାବସ୍ଥାର ସମ୍ମୁଖୀନ ହେଉଥିବା ହକର ମାନେ ଏହାଦ୍ୱାରା ଉପକୃତ ହେବେ ।

CM Naveen Patnaik Distributes Special Assistance To Hawkers

ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ମାନସ ମଙ୍ଗରାଜ ଏଥିରେ ଯୋଗ ଦେଇ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ସାରା ଦେଶରେ ଅଭିନବ ଓ ଅନନ୍ୟ । କାର୍ଯ୍ୟକ୍ରମରେ ଭୁବନେଶ୍ବରରୁ ଗୋବର୍ଦ୍ଧନ ଦାସ, କଟକରୁ ରତ୍ନାକର ପ୍ରଧାନ, ସମ୍ବଲପୁରରୁ କୃଷ୍ଣଚନ୍ଦ୍ର ନାଥ ଓ ବ୍ରହ୍ମପୁରରୁ ସନ୍ତୋଷ ପାଣିଗ୍ରାହୀ ପ୍ରମୁଖ ହକରମାନେ ସେମାନଙ୍କର ଅନୁଭବ ବ୍ୟକ୍ତ କରି କହିଥିଲେ. ଆମେ ହକର ଭାଇମାନେ ଅନେକ ଅର୍ଥାଭାବର ସମ୍ମୁଖୀନ ହୋଇଛୁ । ମୁଖ୍ୟମନ୍ତ୍ରୀ ଆମ ଦୁଃଖ ବୁଝିଥିବାରୁ ଆମେ ହୃଦୟରୁ ତାଙ୍କ ପ୍ରତି ଆମର କୃତଜ୍ଞତା ପ୍ରକାଶ କରୁଛୁ । ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ସ୍ୱାଗତ ଭାଷଣ ଦେଇଥିଲେ ଓ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ । ବିଭିନ୍ନ ଜିଲ୍ଲାରେ ମନ୍ତ୍ରୀ, ବିଧାୟକଗଣ, ଜିଲ୍ଲାପାଳ, ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଓ ହକର ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

Leave a Reply