ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମରେ ନିୟୋଜିତ ପାଚିକା-ସହାୟିକାଙ୍କୁ ଭତ୍ତା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

1 min read
ଭୁବନେଶ୍ୱର: ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମରେ ନିୟୋଜିତ ଥିବା ପାଚିକା ଓ ସହାୟିକାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରଜ ଭେଟି । ଶାଢ଼ି ପାଇଁ ପ୍ରତ୍ୟେକ ପାଚିକା ଓ ସହାୟିକାଙ୍କୁ ୫୦୦ ଟଙ୍କା ଲେଖାଏଁ ଭତ୍ତା ବାଣ୍ଟିଲେ ମୁଖ୍ୟମନ୍ତ୍ରୀ । ୧୧୭.୭୩ କୋଟି ଟଙ୍କାର ଆର୍ଥିକ ସହାୟତା ଓ ଶାଢ଼ି ପାଇଁ ୫ ଦଶମିକ ୪୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିରେ ଉପକୃତ ହୋଇଛନ୍ତି ୧ ଲକ୍ଷ ୯ ହଜାର ପାଚିକା ଓ ସହାୟିକା । ମୁଖ୍ୟମନ୍ତ୍ରୀ କହିଛନ୍ତି ମାଆ ପରି ପିଲାମାନଙ୍କ ଖାଇବା ଦାୟିତ୍ୱ ସ୍କୁଲରେ ନେଉଛନ୍ତି ପାଚିକା ଓ ସହାୟିକା । ସାରା ସମାଜ ଆପଣମାନଙ୍କ ନିକଟରେ ଋଣୀ ।
            ରାଜ୍ୟର ୧ ଲକ୍ଷ ୯ ହଜାର ପାଚିକାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୫ଦଶମିକ ୪୫ କୋଟି ଟଙ୍କା ପ୍ରଦାନ କରାଯାଇଛି । ପିଲାମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ତଥା ପୃଷ୍ଟି ନିରାପତ୍ତା ପାଇଁ ମଧ୍ୟାହ୍ନ ଭୋଜନର ଭୂମିକା ବହୁତ ଗୁରୁତ୍ୱପୂର୍ଣ୍ଣ ରହିଛି । ପାଚିକା ଓ ସହାୟିକାମାନେ ଏହି ଗୁରୁ ଦାୟିତ୍ୱ ବହନ କରୁଛନ୍ତି । ୫୦ ହଜାର ରୁ ଅଧିକ ସ୍କୁଲରେ ୪୫ ଲକ୍ଷରୁ ଅଧିକ ପିଲା ପଢୁଛନ୍ତି । ମାଆ ପରି ଦାୟିତ୍ବ ନେଇ ସମସ୍ତ ପିଲାମାନଙ୍କର ଖାଇବା ବୁଝୁଛନ୍ତି । ୪ ହଜାର ୭୩୦ ମିଶନ ଶକ୍ତି ଗୋଷ୍ଠୀଙ୍କ ଜରିଆରେ ମଧ୍ୟାହ୍ନ ଭୋଜନ କାର୍ଯ୍ୟକ୍ରମ ଚାଲିଛି । ଅନ୍ୟାନ୍ୟ ସବୁ ଦାୟିତ୍ୱ ପରି ଏ ଦାୟିତ୍ୱ ମଧ୍ୟ ମାଆମାନେ ଭଲ ଭାବରେ ପାଳନ କରୁଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ପାଚିକା ଓ ସହାୟିକାମାନଙ୍କୁ ଖାଦ୍ୟ ଓ ସ୍ବଚ୍ଛତା ସମ୍ପର୍କରେ ତାଲିମ ଦିଆଯାଇଛି ।
              ମଧ୍ୟାହ୍ନ ଭୋଜନରେ ସ୍ବଚ୍ଛତା ଓ ଖାଦ୍ୟ ସୁରକ୍ଷା ବଜାୟ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି । ଲୋକସେବା ଭବନର କନଭେନସନ ସେଣ୍ଟରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ଓ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଅଶ୍ବଥି. ଏସ୍ ଯୋଗ ଦେଇଥିଲେ । ସୂଚନାଯୋଗ୍ୟ ଯେ, ରାଜ୍ୟରେ ୫୦,୮୬୨ଟି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୪୫.୫୦ ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେଉଛନ୍ତି । ୪୭୩୦ ମିଶନ ଶକ୍ତି ଗୋଷ୍ଠୀର ୧.୦୯ ଲକ୍ଷ ପାଚିକା ଓ ସହାୟିକାମାନେ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତିରେ ସାମିଲ ଅଛନ୍ତି । ପୂର୍ବରୁ ୨୦୧୭-୧୮ ମସିହାରେ ସେମାନଙ୍କ ପାଇଁ ଶାଢ଼ି ଭତ୍ତା ବାବଦରେ ଜଣକ ପିଛା ୨୫୦ ଟଙ୍କା ମଞ୍ଜୁର କରାଯାଇଥିଲା ।