ଚତୁର୍ଥ ପର୍ଯ୍ୟାୟରେ ୩୨୭ ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

1 min read

ଭୁବନେଶ୍ବର: ନୂଆ ରୂପ ପାଉଛି ରାଜ୍ୟର ସରକାରୀ ସ୍କୁଲ । ଅତ୍ୟାଧୁନିକ ରୂପ ପାଉଛି ସ୍କୁଲ । ଘରୋଇ ବିଦ୍ୟାଳୟ ପରି ସରକାରୀ ବିଦ୍ୟାଳୟରେ ବି ମିଳୁଛି ସମସ୍ତ ପ୍ରକାର ସୁବିଧା । ଏହି କ୍ରମରେ ଚତୁର୍ଥ ପର୍ଯ୍ୟାୟରେ ୩୨୭ ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହିସବୁ ବିଦ୍ୟାଳୟର ଲୋକାର୍ପଣ କରିଛନ୍ତି । ୬ଟି ଜିଲ୍ଲାରେ ଏହି ରୂପାନ୍ତରିତ ସ୍କୁଲର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଚତୁର୍ଥ ପର୍ଯ୍ୟାୟରେ ମାଲକାନଗିରି ଜିଲ୍ଲାରେ ୩୫ ସ୍କୁଲର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍କୁଲକୁ ନୂଆ ରୂପ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ଏବଂ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଛାତ୍ରଛାତ୍ରୀ କୃତଜ୍ଞତା ଜଣାଇଛନ୍ତି । ସେହିପରି ବାଲେଶ୍ବରରେ ୭୬ଟି, ଗଜପତି ଜିଲ୍ଲାରେ ୨୮, ଢେଙ୍କାନାଳରେ ୬୩, କେନ୍ଦୁଝରରେ ୪୫ ଓ କଟକରେ ୮୦ ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଲୋକାର୍ପଣ ଅବସରରେ ସଂପୃକ୍ତ ଜିଲ୍ଲାର ବିଧାୟକ, ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ଶିକ୍ଷୟିତ୍ରୀ ଓ ଅଭିଭାବକଙ୍କୁ ସହଯୋଗ ପାଇଁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଏବେ ଓଡିଶାରେ ରୂପାନ୍ତରର ଯୁଗ ଚାଲିଛି । ଶିକ୍ଷା ହିଁ ଆମ ସମାଜର ସାମୁହିକ ଚିନ୍ତାଧାରକୁ ଉଚ୍ଚସ୍ତରକୁ ନେଇଥାଏ । ସ୍କୁଲ ରୂପାନ୍ତର ଓଡିଆ ଜାତିରେ ନୂଆ ଜାଗରଣର ମାର୍ଗ ପ୍ରଶସ୍ତ କରିଛି । ଆଗାମୀ ଦିନରେ ଏହା ମୁଖ୍ୟ ଭୂମିକା ଗ୍ରହଣ କରିବ ବୋଲି କହିଛନ୍ତି ନବୀନ । ସ୍କୁଲ କଲେଜରୁ ଆରମ୍ଭ କରି ହସ୍ପିଟାଲ, ପର୍ଯ୍ୟଟନ କ୍ଷେତ୍ର, ମଠ ମନ୍ଦିର, ପଞ୍ଚାୟତ, ଗାଁ ସବୁଠାରେ ରୂପାନ୍ତର କାର୍ଯ୍ୟ ଚାଲିଛି । ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନ ପାଇଁ ଏହି ରୂପାନ୍ତର ରାସ୍ତା ପ୍ରସ୍ତୁତ କରୁଛି । ଏସବୁ ରୂପାନ୍ତର କାର୍ଯ୍ୟକ୍ରମ ମଧ୍ୟରେ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ଓ ଶ୍ରେଷ୍ଠ ହେଉଛି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ । ସ୍କୁଲରୁ ହିଁ ଗୋଟିଏ ଜାତିର ଭବିଷ୍ୟତ ନିର୍ମାଣ ହୋଇଥାଏ । ସରକାରୀ ସ୍କୁଲର ପିଲାମାନଙ୍କ ପାଇଁ ମେଡିକାଲ ଓ ଇଞ୍ଜିନିୟରିଂ କଲେଜରେ ୧୫ ପ୍ରତିଶତ ସ୍ଥାନ ସଂରକ୍ଷଣ କରାଯାଇଛି । ସରକାରୀ ସ୍କୁଲରେ ପିଲାଙ୍କ ଶିକ୍ଷାଦାନ କ୍ଷେତ୍ରରେ ବହୁ ଉନ୍ନତି ଆସିଛି । ଏବେ ସରକାରୀ ସ୍କୁଲରେ ପାଠ ପଢିବା ପାଇଁ ପିଲା ଓ ଅଭିଭାବକ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହେଉଛି । ଏକ ଉଜ୍ଜଳ ଭବିଷ୍ୟତ ଗଠନ ପାଇଁ ଏବେ ସରକାରୀ ସ୍କୁଲ ଗୁଡିକ ଶ୍ରେଷ୍ଠ ମାଧ୍ୟମ ହୋଇଛି । ତେଣୁ ଏହି ରୂପାନ୍ତରିତ ସ୍କୁଲର ସଠିକ ଉପଯୋଗ କରି ଭଲ ପାଠ ପଢି ଏକ ସୁନ୍ଦର ଭବିଷ୍ୟତ ଗଢିବା ପାଇଁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଛନ୍ତି ।

ଏହି ଅବସରରେ ଜୀବନରେ 5T ନୀତିର ପ୍ରୟୋଗ କରିବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କାର୍ଯ୍ୟକ୍ରମରେ ଯୋଗ ଦେଇ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଥିଲେ 5T ସ୍କୁଲ ରୂପାନ୍ତର ଆଜି ପିଲାଙ୍କ ମଧ୍ୟରେ ଭଲ ପାଠ ପଢି ବଡ ହେବାର ସ୍ବପ୍ନକୁ ଜାଗ୍ରତ କରିପାରିଛି । ସରକାରୀ ସ୍କୁଲରେ ପାଠ ପଢି ବହୁତ ପିଲା ବଡ଼ ମଣିଷ ହୋଇଛନ୍ତି । ପୂର୍ବରୁ ୩ଟି ପର୍ଯ୍ୟାୟରେ ରାଜ୍ୟରେ ୬ ହଜାର ୮୮୩ଟି ସ୍କୁଲ ରୂପାନ୍ତରିତ ହୋଇଛି । ଚତୁର୍ଥ ପର୍ଯ୍ୟାୟରେ ସମୁଦାୟ ୧ ହଜାର ୭୯୪ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ । ଏହି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୮ ହଜାର ୬୭୭ଟି ସ୍କୁଲ ରୂପାନ୍ତରିତ ହେବ ।