ଭୁବନେଶ୍ବର: ଆଜି ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ଲୋକସେବା ଭବନରେ ପାଳିତ ହୋଇଛି ଶାନ୍ତି, ଅହିଂସା ଓ ସ୍ବରାଜର ମହୋତ୍ସବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନ ପରିସରରେ ପବିତ୍ର ଅଶ୍ବତ୍ଥ ବୃକ୍ଷକୁ ସ୍ବରାଜ ବୃକ୍ଷ ଭାବରେ ରୋପଣ କରିଛନ୍ତି । ସାରା ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ପବିତ୍ର ମାଟି ଓ ଜଳ ପ୍ରଦାନ କରି ମୁଖ୍ୟମନ୍ତ୍ରୀ ସ୍ବରାଜ ବୃକ୍ଷ ରୋପଣ କରିଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଅଶ୍ବତ୍ଥ ବୃକ୍ଷ ସାରା ଦେଶରେ ଯୁଗ ଯୁଗ ଧରି ଶାନ୍ତି, ସ୍ବାଧୀନତା ଓ ଅହିଂସାର ବାର୍ତ୍ତା ବହନ କରିଆସିଛି ଏବଂ ଯୁଗ ଯୁଗ ପାଇଁ ଏ ବାର୍ତ୍ତା ବହନ କରିଚାଲିବ। ଗାନ୍ଧୀଙ୍କ ଶାନ୍ତି ଓ ଅହିଂସା ମନ୍ତ୍ରରେ ଦୀକ୍ଷିତ ହୋଇ ଏକ ସମୃଦ୍ଧ ଭାରତ ଗଠନ ନିମନ୍ତେ ଶକ୍ତିଶାଳୀ ଯୋଗଦାନ ରଖିବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆହ୍ବାନ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ବୃକ୍ଷ ସିନ୍ଧୁ ସଭ୍ୟତାରୁ ଆରମ୍ଭ କରି ଭଗବାନ ବୁଦ୍ଧଙ୍କ ସାଧନା ସହ ଯୋଡି ହୋଇ ରହିଛି । ଗୀତାରେ ମଧ୍ୟ ଏ ବୃକ୍ଷର ବର୍ଣ୍ଣନା ରହିଛି । ଏ ବୃକ୍ଷ ଆମ ସାମାଜିକ ଓ ସାଂସ୍କୃତିକ ଜୀବନର ସାକ୍ଷୀ । ଏହା ଅତୀତରେ ଥିଲା, ବର୍ତ୍ତମାନ ଅଛି ଏବଂ ଭବିଷ୍ୟତରେ ମଧ୍ୟ ରହିଥିବ ।
ମନ୍ତ୍ରୀ ପ୍ରଦୀପ ଅମାତ ଓ ମନ୍ତ୍ରୀ ଅଶୋକ ପଣ୍ଡା ମୁଖ୍ୟମନ୍ତ୍ରୀଙ୍କୁ ଏହି ଅବସରରେ ସ୍ୱାଗତ କରିଛନ୍ତି । କାର୍ଯ୍ୟକ୍ରମରେ ମନ୍ତ୍ରୀମଣ୍ଡଳର ସଦସ୍ୟ ବୃନ୍ଦ, ବିଧାୟକ ଗଣ, ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତାଙ୍କ ସମେତ ବରିଷ୍ଠ ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ । ଲୋକପ୍ରିୟ ଗାୟିକା ନାଜିଆ ଆଲାମ ଏହି ଅବସରରେ ରାମଧୁନ ଗାନ କରିଥିଲେ ।

