୪୬ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ଗଲା କାଳିଆ ସହାୟତା

1 min read

ଭୁବନେଶ୍ବର: ଖରିଫ ଚାଷ ପାଇଁ ଚାଷୀଙ୍କୁ ମିଳିଲା ବଳ । ରାଜ୍ୟର ୪୬ ଲକ୍ଷ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀଙ୍କ ଆକାଉଣ୍ଟକୁ ଗଲା କାଳିଆ ସହାୟତା । ୯୩୩.୭ କୋଟି ଟଙ୍କାର କାଳିଆ ସହାୟତା ପ୍ରଦାନ କରିଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ଚାଷୀ ଭାଇଭଉଣୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ କାଳିଆ ସହାୟତା ବାବଦରେ ୨ ହଜାର ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାଦ୍ବାରା ୪୫ ଲକ୍ଷରୁ ଅଧିକ ଚାଷୀ ଉପକୃତ ହେବେ । ସେହିପରି ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ଓ ସେମାନଙ୍କୁ କୃଷି ସମ୍ବନ୍ଧୀୟ ବୈଷୟିକ ସହାୟତା ପ୍ରଦାନ ନିମନ୍ତେ ମୁଖ୍ୟମନ୍ତ୍ରୀ ୩୦ଟି ଜିଲ୍ଲାରେ କାଳିଆ କେନ୍ଦ୍ର ଉଦ୍‌ଘାଟନ କରିଛନ୍ତି ।

ସବୁ ଭୂମିହୀନ ଚାଷୀ ପରିବାରକୁ ଚଳିତ ଖରିଫ ଋତୁ ପାଇଁ ଅତିରିକ୍ତ ୨ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ପୂର୍ବରୁ ୩ଟି କିସ୍ତିରେ ୧୨,୫୦୦ ଟଙ୍କା ପ୍ରଦାନ କରାଯାଇଥିଲା । ଏବେ ଅତିରିକ୍ତ ସହାୟତା ପାଇବା ଦ୍ବାରା ରାଜ୍ୟର ୧୮ ଲକ୍ଷରୁ ଊର୍ଦ୍ଧ୍ବ ଭୂମିହୀନ ଚାଷୀ ପରିବାର ଉପକୃତ ହେବେ । ଏଥିପାଇଁ ସମୁଦାୟ ୩୬୦ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଚାଷୀ ଭାଇଭଉଣୀଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରତ୍ୟେକ ଚାଷୀ ପରିବାର ସମ୍ମାନ ସହ ବଞ୍ଚନ୍ତୁ, ସଶକ୍ତ ହୁଅନ୍ତୁ ଓ ଓଡିଶାର ସମୃଦ୍ଧିରେ ଯୋଗଦାନ ରଖନ୍ତୁ । କାଳିଆ ଯୋଜନାର ସମୟ ଅବଧି ଆଉ ୩ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏଥିପାଇଁ ରାଜ୍ୟ ସରକାର ୬ ହଜାର ୩୦ କୋଟି ଟଙ୍କା ଖର୍ଚ୍ଚ କରିବେ ।

ସେହିପରି କାଳିଆ ହିତାଧିକାରୀ ପିଲାମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ଚଳିତ ଶିକ୍ଷା ବର୍ଷରୁ କାଳିଆ ଛାତ୍ରବୃତ୍ତି କାର୍ଯ୍ୟକ୍ରମରେ ପରିବର୍ତ୍ତନ କରିବେ । ଏହାଦ୍ବାରା NIT, IIT, IIM,  AIIMS, ICAR ପରି ସମ୍ମାନଜନକ ଶିକ୍ଷାନୁଷ୍ଠାନ ସହ ରାଜ୍ୟ ଓ ରାଜ୍ୟ ବାହାରେ ବିଭିନ୍ନ ଘରୋଇ ବୈଷୟିକ ଓ ବୃତ୍ତିଗତ ଶିକ୍ଷାନୁଷ୍ଠାନରେ ପଢୁଥିବା ଚାଷୀ ପରିବାରର ପିଲାଙ୍କୁ କାଳିଆ ଛାତ୍ରବୃତ୍ତି ପ୍ରଦାନ କରାଯିବ ।

କାର୍ଯ୍ୟକ୍ରମରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କହିଥିଲେ, ୨୦୧୯ ମସିହାରେ ଏହି ଐତିହାସିକ କାଳିଆ ଯୋଜନାର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ । ଇତିମଧ୍ୟରେ ୬୪ ଲକ୍ଷ ଚାଷୀ ଭାଇ ଏହି ଯୋଜନାରେ ସାମିଲ ହୋଇଛନ୍ତି । ଗତ ୫ ବର୍ଷ ମଧ୍ୟରେ ୧୩ ହଜାର ୭୯୩ କୋଟି ଟଙ୍କାର ସହାୟତା ସେମାନଙ୍କ ବ୍ୟାଙ୍କ ଖାତାକୁ ଯାଇଛି । ଭାରତ ବର୍ଷରେ ଓଡିଶା ହେଉଛି ଏକମାତ୍ର ରାଜ୍ୟ, ଯେଉଁଠି ଭୂମିହୀନ ଚାଷୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଉଛି ବୋଲି ପାଣ୍ଡିଆନ କହିଥିଲେ ।

କୃଷି ଓ କୃଷକ ସଶକ୍ତିରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଥିଲେ, ୫ ବର୍ଷ ପୂର୍ବେ ମୁଖ୍ୟମନ୍ତ୍ରୀଙ୍କ ଏହି ଐତିହାସିକ କାଳିଆ ଯୋଜନା ଶ୍ରୀକ୍ଷେତ୍ର ପୁରୀରୁ ଆରମ୍ଭ ହୋଇଥିଲା । ଏହି ଯୋଜନା ଜାତୀୟ ସ୍ତରରେ ଉଚ୍ଚ ପ୍ରଶଂସିତ ହେବା ସହିତ ଓଡିଶାର ଚାଷୀ ଭାଇଭଉଣୀଙ୍କ ପାଇଁ ସହାୟକ ହୋଇପାରିଛି । ରାଜ୍ୟରେ ଚାଷୀ ଭାଇଙ୍କ ସ୍ଥିତିକୁ ଅନୁଧ୍ୟାନ କରି ମୁଖ୍ୟମନ୍ତ୍ରୀ ଏହାର ଆକାର ଓ ପରିମାଣକୁ କ୍ରମାଗତ ଭାବେ ସଂପ୍ରସାରଣ କରୁଛନ୍ତି ।

କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପି.କେ. ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିରଣ ବିଭାଗର ପ୍ରମୁଖ ଶାସନ ସଚିବ ଡଃ ଅରବିନ୍ଦ କୁମାର ପାଢୀ ସ୍ବାଗତ ଭାଷଣ ଦେଇଥିବା ବେଳେ କୃଷି ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ ।