କରୋନା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା: ‘ପରିସ୍ଥିତି ନିୟନ୍ତ୍ରାଧିନ, ତଥାପି ଆତ୍ମସନ୍ତୋଷ ନୁହେଁ’

1 min read

ଭୁବନେଶ୍ୱର: ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ ରାଜ୍ୟରେ କୋଭିଡର ସ୍ଥିତି, ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ କୋଭିଡ ସହାୟତା ସମ୍ପର୍କରେ ସମୀକ୍ଷା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ କିଛି ସପ୍ତାହ ହେଲା ରାଜ୍ୟରେ ପଜିଟିଭିଟି ହାର କମିଥିଲେ ମଧ୍ୟ, କେତେକ ଜିଲ୍ଲାରେ ସଂକ୍ରମଣ ସ୍ଥିତିରେ ଆହୁରି ଉନ୍ନତି ଆସିବାକୁ ବାକି ଅଛି । ଯଦିଓ ପରିସ୍ଥିତି ନିୟନ୍ତ୍ରଣାଧୀନ, ତଥାପି ଆତ୍ମସନ୍ତୋଷ ନୁହେଁ, ଅଧିକ ସତର୍କତା ହିଁ ଆମକୁ ସୁରକ୍ଷିତ ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତେଣୁ ଲୋକମାନେ ଯେପରି ଅଯଥାରେ ଗହଳି ନ କରିବେ, ତାକୁ ଦୃଷ୍ଟିରେ ରଖି କୋଭିଡ ନିୟମାବଳୀକୁ କଡ଼ାକଡ଼ି ଭାବରେ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ବିଶେଷଜ୍ଞମାନଙ୍କର ମତକୁ ଉଦ୍ଧାର କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯଦି ଅଗଷ୍ଟ ଶେଷ ବେଳକୁ ତୃତୀୟ ଲହରୀ ଆସେ, ସେଥିପାଇଁ ଆମକୁ ଏହାର ପୂର୍ଣ୍ଣ ପ୍ରସ୍ତୁତିର ସହ ମୁକାବିଲା କରିବାକୁ ହେବ । ସ୍ୱାସ୍ଥ୍ୟସେବା ରାଜ୍ୟ ସରକାରଙ୍କର ସର୍ବୋଚ୍ଚ ପ୍ରାଥମିକତା ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ୱାସ୍ଥ୍ୟସେବା ଭିତ୍ତିଭୂମିର ସୁଦୃଢୀକରଣ ସହିତ ମାନବସମ୍ବଳ ବିନିଯୋଗ ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି । ଲୋକମାନେ ଯେପରି ବିନା କୌଣସି ଅସୁବିଧାରେ ସ୍ୱାସ୍ଥ୍ୟ ସେବା ପାଇପାରିବେ, ସେ ଦିଗରେ ଜିଲ୍ଲା ପ୍ରଶାସନର ଗୁରୁଦାୟିତ୍ୱ ରହିଛି । ପ୍ରତି ଜୀବନ ମୂଲ୍ୟବାନ। ଏହା ହେଉଛି ରାଜ୍ୟ ସରକାରଙ୍କର ସ୍ୱାସ୍ଥ୍ୟ ନୀତିର ଆଧାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ତେଣୁ ଜିଲ୍ଲା ହସ୍‌ପିଟାଲ ଠାରୁ ଆରମ୍ଭ କରି CHC ଲେଭଲ ପର୍ଯ୍ୟନ୍ତ ଯେଭଳି ସ୍ୱାସ୍ଥ୍ୟସେବାରେ କୌଣସି ଅସୁବିଧା ନ ହୁଏ, ସେଥିପାଇଁ ଥାନା IICଙ୍କ ଠାରୁ ଆରମ୍ଭ କରି ବିଡିଓ, ଏସ୍‌.ଡି.ପି.ଓ, ସବ୍‌କଲେକ୍ଟର, ଏସ୍‌.ପି ଓ ଜିଲ୍ଲାପାଳ ସମସ୍ତେ ଏହାକୁ ସେମାନଙ୍କର ମୂଳ ଦାୟିତ୍ୱର ଅଂଶଭାବରେ ଜ୍ଞାନ କରି ଯତ୍ନବାନ ହେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

କୋଭିଡର ଦ୍ୱିତୀୟ ଲହର ସମୟରେ ମୁଖ୍ୟମନ୍ତ୍ରୀ ଗରିବ ଲୋକଙ୍କ ପାଇଁ ବିଶେଷତଃ ଛୋଟ ଚାଷୀ, ନିର୍ମାଣ ଶ୍ରମିକ, ମନରେଗା ଶ୍ରମିକ, ଆଦିମ ଜନଜାତି ପରିବାର, ଅନୁସୁଚିତ ଜାତି, ଜନଜାତି ଛାତ୍ରଛାତ୍ରୀ ଓ ମିଶନ ଶକ୍ତିର ମା’ ମାନଙ୍କ ଠାରୁ ଆରମ୍ଭ କରି ଉଠା ଦୋକାନି ବିଭିନ୍ନ ବର୍ଗର ଲୋକଙ୍କ ପାଇଁ କୋଭିଡ ସହାୟତା ଘୋଷଣା କରିଥିଲେ । ରାଜ୍ୟ ସରକାରଙ୍କର ୧୦ଟି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମରେ ଏହି ସହାୟତା କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ କରାଯାଇଛି । ଏପର୍ଯ୍ୟନ୍ତ ଉପରୋକ୍ତ ବର୍ଗର ଲୋକମାନଙ୍କୁ ୨୦୦୪ କୋଟି ଟଙ୍କା ପର୍ଯ୍ୟନ୍ତ ସହାୟତା ପ୍ରଦାନ କରାଯାଇଛି ବୋଲି ବୈଠକରୁ ଜଣାପଡ଼ିଛି ।

ବୈଠକରେ ଅଂଶଗ୍ରହଣ କରି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଶିକ୍ଷକ ତଥା ସ୍କୁଲର କର୍ମଚାରୀମାନଙ୍କ ଟିକାକରଣ ଉପରେ ଗୁରୁତ୍ୱାରୋପ କରିଥିଲେ। ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ତୃତୀୟ ଲହରର ମୁକାବିଲା ପାଇଁ ପ୍ରସ୍ତୁତି ସମ୍ପର୍କରେ ବୈଠକରେ ଅବଗତ କରିଥିଲେ । ଉନ୍ନୟନ କମିଶନର ତଥା ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା କାର୍ଯ୍ୟକାରୀତା ସଂପର୍କରେ ଉପସ୍ଥାପନା ରଖିଥିଲେ । ବୈଠକରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର କାର୍ଯ୍ୟକାରୀତା ସମ୍ପର୍କରେ ମଧ୍ୟ ସମୀକ୍ଷା କରାଯାଇଥିଲା ।

ଏଥିସହିତ ପଢ଼ନ୍ତୁ: ରାଜ୍ୟରେ ଆଉ ୧ହଜାର ୯୧୭ଜଣ କରୋନା ସଂକ୍ରମିତ ଚିହ୍ନଟ: ୬୯ ଜଣଙ୍କ ମୃତ୍ୟୁ

Leave a Reply