କେବଳ ଜନସାଧାରଣଙ୍କ ସନ୍ତୋଷ ନୁହେଁ, ନିରନ୍ତର ଉତ୍ତମ ସେବା ଆମର ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

1 min read
CM Naveen Patnaik Reviews Mo Sarkar Programme

ଭୁବନେଶ୍ୱର: କେବଳ ଜନସାଧାରଣଙ୍କ ସନ୍ତୋଷ ନୁହେଁ, ନିରନ୍ତର ଉତ୍ତମ ସେବା ହେଉଛି ଆମର ଲକ୍ଷ୍ୟ । ତେଣୁ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ଆମ ସମସ୍ତଙ୍କୁ କ୍ରମାଗତ ଭାବରେ ପରିବର୍ତ୍ତନ କରିବାକୁ ହେବ । ଆଜି ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ‘ମୋ ସରକାର’ କାର୍ଯ୍ୟକ୍ରମର ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶାସନିକ ଅଧିକାରୀ ମାନଙ୍କୁ ଏହି ବାର୍ତ୍ତା ପ୍ରଦାନ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ମୋ ସରକାର କାର୍ଯ୍ୟକ୍ରମ ୨ ବର୍ଷ ଧରି ଆରମ୍ଭ ହୋଇଛି । ପ୍ରଶାସନିକ ସ୍ତରରେ ସରକାରଙ୍କ ଏହି ରୂପାନ୍ତର ଉଦ୍ୟମ ଜନସାଧାରଣଙ୍କ ମଧ୍ୟରେ ସରକାରଙ୍କ ସପକ୍ଷରେ ବିଶ୍ୱାସ ସୃଷ୍ଟି କରିପାରିଛି । ଏହି ପ୍ରକ୍ରିୟା ବର୍ତ୍ତମାନ ରାଜ୍ୟ ସରକାରଙ୍କ ବିଭିନ୍ନ ପଦାଧିକାରୀ ଓ କର୍ମଚାରୀ ମାନଙ୍କ ମଧ୍ୟରେ ବ୍ୟବହାରିକ ପରିବର୍ତ୍ତନ ଆଣିବାରେ ସକ୍ଷମ ହୋଇଛି ।

ସରକାରୀ ଅଧିକାରୀଙ୍କ ମଧ୍ୟରେ ବୃତ୍ତିଗତ ବ୍ୟବହାର ଆଣିବା ପାଇଁ ରାଜ୍ୟ ସରକାରଙ୍କ କ୍ରମାଗତ ଉଦ୍ୟମ ସଫଳ ହୋଇଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଏଥିପାଇଁ ଖୁସିବ୍ୟକ୍ତ କରିଛନ୍ତି । ସରକାରୀ ଅଧିକାରୀମାନେ ଏବେ ଜନସାଧାରଣଙ୍କ ସହିତ ଅଧିକ ଦାୟିତ୍ୱସମ୍ପନ୍ନ ତଥା ସହୃଦୟତାର ସହ ବ୍ୟବହାର କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୋ ସରକାରରୁ ମିଳିଥିବା ଫିଡବ୍ୟାକ୍‌ ଅନୁଯାୟୀ ସରକାରଙ୍କ ଅନେକ ବିଭାଗ ଭଲ ପ୍ରଦର୍ଶନ କରିଛନ୍ତି ।

ରାଜ୍ୟ ସରକାରଙ୍କ ସବୁ କାର୍ଯ୍ୟକ୍ରମ ଓ ସେବା ମୋ ସରକାର କାର୍ଯ୍ୟକ୍ରମର ଲକ୍ଷ୍ୟ ଅନୁଯାୟୀ ଯେପରି ସର୍ବୋତ୍ତମ ଭାବେ କାର୍ଯ୍ୟ କରିବ, ସେଥିପାଇଁ ଧ୍ୟାନ ଦେବା ପାଇଁ ସମୟ ଆସିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏଥିପାଇଁ ନାଗରିକ ମାନଙ୍କ ଡାଟାବେସକୁ ସବୁ ସମୟରେ ନବୀକୃତ କରିବା ଜରୁରୀ । ଏହା ଦୁର୍ନୀତି ପ୍ରତି ଶୂନ୍ୟ ସହିଷ୍ଣୁତା ନୀତିକୁ ସୁନିଶ୍ଚିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ, ମୋ ସରକାର କାର୍ଯ୍ୟକ୍ରମରେ ୨୮ଟି ବିଭାଗର ୨୨୨ଟି ସେବା ଅନ୍ତର୍ଭୁକ୍ତ କରାଯାଇଛି ଏବଂ ଏ ସମ୍ପର୍କରେ ଲୋକମାନଙ୍କ ପାଖରୁ ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ଜିଲ୍ଲାପାଳଙ୍କ ପର୍ଯ୍ୟନ୍ତ ବିଭିନ୍ନ ସ୍ତରରେ ନିୟମିତ ତଥ୍ୟ ସଂଗ୍ରହ କରାଯାଇଛି । ଆଜିର ବୈଠକରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ସ୍ୱରାଷ୍ଟ୍ର ବିଭାଗ, ମହିଳା ଓ ଶିଶୁ ବିକାଶ ବିଭାଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗ ଏବଂ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ପକ୍ଷରୁ ଉପସ୍ଥାପନା ଜରିଆରେ ସେମାନଙ୍କ ବିଭାଗରେ ମୋ ସରକାର କାର୍ଯ୍ୟକ୍ରମର କାର୍ଯ୍ୟକାରୀତା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ଏହି ବିଭାଗର ସମୂହର ସେବା ପାଇଁ ମୋଟାମୋଟି ଭାବରେ ସନ୍ତୋଷଜନକ ପ୍ରତିକ୍ରିୟା ମିଳିଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇଥିଲେ ଏବଂ ଆହୁରି ଅଧିକ ନିଷ୍ଠାର ସହ ସେବା ଯୋଗାଇ ଦେବାପାଇଁ ପରାମର୍ଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଭି.କେ. ପାଣ୍ଡିଆନ ଉପସ୍ଥାପିତ ତଥ୍ୟର ଅନୁଶୀଳନ କରି ଏହି କାର୍ଯ୍ୟକ୍ରମର କିପରି ଅଧିକ ଉନ୍ନତି ଆସିପାରିବ, ସେ ସମ୍ପର୍କରେ ମତାମତ ରଖିଥିଲେ । ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ପୋଲିସ ମହାନିର୍ଦ୍ଦେଶକ ଅଭୟ, ଉନ୍ନୟନ କମିଶନର ପି.କେ. ଜେନା ଏବଂ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ସଚିବ ଓ ଶାସନ ସଚିବମାନେ ଉପସ୍ଥିତ ଥିଲେ । ଇଲେକ୍ଟ୍ରୋନିକ୍‌ସ ଓ ଆଇଟି ବିଭାଗର ସଚିବ  ମନୋଜ ମିଶ୍ର ମୋ ସରକାର କାର୍ଯ୍ୟକ୍ରମ ସମ୍ପର୍କରେ ଏକ ସାମଗ୍ରୀକ ଉପସ୍ଥାପନା ପ୍ରଦାନ କରିଥିଲେ ।

Leave a Reply