ହବିଷ୍ୟାଳୀ ଯୋଜନାର ଶୁଭାରମ୍ଭ କଲେ ନବୀନ, ବୃନ୍ଦାବତୀ ନିବାସରେ ରହିବା ପାଇଁ ବ୍ୟବସ୍ଥା

1 min read

ପୁରୀ: ଶ୍ରୀକ୍ଷେତ୍ରରେ ଆରମ୍ଭ ହେଲା ମହାକାର୍ତ୍ତିକ ବ୍ରତ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ଥାୟୀ ହବିଷ୍ୟାଳୀ ଶିବିର ବୃନ୍ଦାବତୀ ଭକ୍ତ ନିବାସର ଲୋକାର୍ପଣ ସହ ହବିଷ୍ୟାଳୀ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସବୁ ହବିଷ୍ୟାଳି ମା ମାନଙ୍କୁ ସ୍ବାଗତ କରି ସମସ୍ତଙ୍କୁ ଗୋଟିଏ ଗୋଟିଏ ଶାଲ୍‌ ଉପହାର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ମା ମାନେ ଶାନ୍ତି ଓ ଆନନ୍ଦରେ କାର୍ତ୍ତିକ ବ୍ରତ ପାଳନ କରିବେ ବୋଲି ଆଶା ପ୍ରକାଶ କରି ମୁଖ୍ୟମନ୍ତ୍ରୀ ସେମାନଙ୍କ ଓ ସେମାନଙ୍କ ପରିବାର ତଥା ସାରା ଓଡିଶାବାସୀଙ୍କ ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ କାମନା କରିଛନ୍ତି ।

ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଥିବାରୁ ପ୍ରଶଂସା କରିଛନ୍ତି ହବିଷ୍ୟାଳୀ । ହବିଷ୍ୟାଳି ମା’ ମାନଙ୍କ ଦର୍ଶନ, ପୂଜନ, ଭଜନ, କୀର୍ତ୍ତନ ଆଦିର ସମସ୍ତ ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର । ସେମାନଙ୍କ ସୁରକ୍ଷା ଓ ସ୍ବାସ୍ଥ୍ୟ ପାଇଁ ସମସ୍ତ ବନ୍ଦୋବସ୍ତ କରାଯାଇଛି ।

ଏହି ଅବସରରେ ମନ୍ତ୍ରୀ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ, କ୍ରୀଡା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ଓ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ବିନୀ ପାତ୍ର ଓ ସାଂସଦ ପିନାକୀ ମିଶ୍ର ପ୍ରମୁଖ ସେମାନଙ୍କର ଅଭିଭାଷଣ ରଖି କହିଥିଲେ ଯେ ମୁଖ୍ୟମନ୍ତ୍ରୀ ସବୁବେଳେ ଓଡିଶାବାସୀଙ୍କ କଲ୍ୟାଣ ପାଇଁ କାମ କରିଆସିଛନ୍ତି । ଆଜି ମା ମାନଙ୍କ ମନ କଥା ଜାଣି, ସେ ପୁରୀରେ କାର୍ତ୍ତିକ ବ୍ରତ ପାଳନ ପାଇଁ ବୃନ୍ଦାବତୀ ନିବାସ ଉଦ୍‌ଘାଟନ କରିଛନ୍ତି ।

ଏହି ଅବସରରେ ୩ ଜଣ ହବିଷ୍ୟାଳି ମା ଗଞ୍ଜାମର ଉର୍ମିଳା ପଟ୍ଟନାୟକ, ମୟୂରଭଞ୍ଜର ସାବିତ୍ରୀ ବିନ୍ଧାଣି ଓ ପୁରୀର ଡ଼ଲିମଣି ନାଇଡ଼ୁ ସେମାନଙ୍କ ଏହି ନୂଆ ସୁବିଧା ସଂପର୍କରେ ମତବ୍ୟକ୍ତ କରି କହିଲେ ଯେ ମୁଖ୍ୟମନ୍ତ୍ରୀ ଆମ ପାଇଁ ସବୁ ସୁବିଧା କରିଛନ୍ତି। ରହିବା, ଶୋଇବା, ଖାଇବା କୌଣସିରେ ଅସୁବିଧା ନାହିଁ । ଜଗନ୍ନାଥ ମହାପ୍ରଭୁ ଆମ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୋଟିଏ ପରମାୟୁ ଦିଅନ୍ତୁ କହି ସେମାନେ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଆଶୀର୍ବାଦ ଭିକ୍ଷା କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଛନ୍ତି । ପୁରୀ ବିଧାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ପରିଚାଳନା କମିଟିର ସଦସ୍ୟଗଣ ଓ ଅନ୍ୟ ବରିଷ୍ଠ ବ୍ୟକ୍ତି ମାନେ ଯୋଗ ଦେଇଥିଲେ । ପୁରୀ ଜିଲ୍ଲାପାଳ ସ୍ବାଗତ ଭାଷଣ ଦେବା ସହ ଅତିରିକ୍ତି ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଛନ୍ତି ।

ନୂତନ ଭାବେ ନିର୍ମିତ ବୃନ୍ଦାବତୀ ନିବାସରେ ପୁରୀ, ଗଞ୍ଜାମ ଓ ନୟାଗଡ଼ ଜିଲ୍ଲାର ୧ ହଜାର ୬୦୪ ଜଣ, ଅକ୍ଷୟ ପାତ୍ର ଫାଉଣ୍ଡେସନ, ବଗଲା ଧର୍ମଶାଳା ଓ ବାଗେଡିଆ ଧର୍ମଶାଳାରେ ଖୋର୍ଦ୍ଧା ଜିଲ୍ଲାର ୭୩୦ ଜଣ, ମୋଚି ସାହି କଲ୍ୟାଣ ମଣ୍ଡପରେ ଅବଶିଷ୍ଟ ଜିଲ୍ଲାର ୬୦୧ ଜଣ ହବିଷ୍ୟାଳିଙ୍କ ରହଣି ବ୍ୟବସ୍ଥା କରାଯାଇଛି ।