କିଛି ଦିନର ବ୍ୟବଧାନ ପରେ ପୁଣି ଫେରିଲା ଶୀତ । ଆସନ୍ତା ଦୁଇ ସପ୍ତାହ ପର୍ଯ୍ୟନ୍ତ ଥଣ୍ଡା ଜାରି ରହିବ । ଫେବ୍ରୁଆରୀ ୫ ତାରିଖ ଯାଏ ସର୍ବନିମ୍ନ ତାପମାତ୍ରା ଆଭ୍ୟନ୍ତରୀଣ ଓଡ଼ିଶାରେ ୧୦ରୁ ୧୪ ଡିଗ୍ରୀ ରହିବ । ଉପକୂଳ ଓ ଏହାର ନିକଟବର୍ତ୍ତୀ ଜିଲ୍ଲାମାନଙ୍କରେ ୧୪ରୁ ୧୮ ଡିଗ୍ରୀ ରହିବ । ସେହିପରି ଆସନ୍ତା ଫେବ୍ରୁଆରୀ ୬ରୁ ୧୨ ତାରିଖ ମଧ୍ୟରେ ପଶ୍ଚିମ ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ୬ରୁ ୧୦ ଡିଗ୍ରୀ ରହିବ । ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳ ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ୧୦ରୁ ୧୪ ଡିଗ୍ରୀ ରହିବ । ଉତ୍ତର ଉପକୂଳ ଅଞ୍ଚଳରେ ୧୪ରୁ ୧୬ ଡିଗ୍ରୀ ତାପମାତ୍ରା ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଜଗତ୍ସିଂହପୁର, ପୁରୀ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ଢେଙ୍କାନାଳ, ଖୋର୍ଦ୍ଧା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁହୁଡ଼ି ଦେଖିବାକୁ ମିଳିବ ।

