ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ: ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର: ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ । ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ଜିରୋ ଟଲେରାନ୍ସ ଉପରେ ଜୋର ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସ୍ୱଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ଉତ୍ତମ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି । ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏଥିରେ ଇଞ୍ଜିନିୟର, ସିଡିପିଓ, ଅଙ୍ଗନବାଡି ସୁପରଭାଇଜର, ପୋଲିସ ଇନ୍ସପେକ୍ଟର, ରେଭିନ୍ୟୁ ସୁପରଭାଇଜର ଅନ୍ତର୍ଭୁକ୍ତ ଅଛନ୍ତି ।

ଯେଉଁ ୫ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ସେମାନଙ୍କ ମଧ୍ୟରୁ ବାରିପଦା ଆଇଟିଡିଏର ଆସିଷ୍ଟାଣ୍ଟ ଇଂଜିନିୟର ସନ୍ତୋଷ କୁମାର ଦାସଙ୍କର ୨.୮୦ କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ରହିଛି । ସେଥିପାଇଁ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା । ତାଙ୍କ ଘରୁ ୪୧.୭୭ ଲକ୍ଷ ଟଙ୍କା ନଗଦ ଜବତ କରାଯାଇଥିଲା । ଭୁବନେଶ୍ବର ବଡ଼ଗଡରେ ଏକ ଦୁଇତାଲା ବିଶିଷ୍ଟ ଘର, ଶୈଳଶ୍ରୀ ବିହାରରେ ଏକ ଫ୍ଲାଟ୍, କଳିଙ୍ଗ ବିହାରରେ ଏକ ଅର୍ଦ୍ଧନିର୍ମିତ ବିଲ୍ଡିଂ ମଧ୍ୟ ରହିଛି । ଏହା ସହିତ ବାଲେଶ୍ୱରରେ ୩ଟି ପ୍ଲଟ୍ ମଧ୍ୟ ଅଛି । ଅପାରଗତା, ଅସାଧୁତା ଓ ଆର୍ଥିକ ଅନିୟମିତତା ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ସେହିପରି ଜଗତସିଂହପୁର ବାଲିକୁଦାର ଗୋଷ୍ଠୀ ଉନ୍ନୟନ ପ୍ରକଳ୍ପ ଅଧିକାରୀ ବା ସିଡିପିଓ ସରଳା ଦେଇ ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସେ ଭିଜିଲାନ୍ସ ହାତରେ ଧରା ପଡିଥିଲେ । ତାଙ୍କର ଭୁବନେଶ୍ବରରେ ୫ଟି ପ୍ଲଟ, ପିପିଲିରେ ଗୋଟିଏ ଓ ଜଗତସିଂହପୁରରେ ଦୁଇଟି ପ୍ଲଟ ରହିଛି । ଏହାସହ ଜଗତସିଂପୁରରେ ଗୋଟିଏ ଦୁଇତାଲା ବିଲ୍ଡିଂ ଅଛି। ଏହା ସହିତ ଟଙ୍କା ଓ ସୁନାଗହଣା ମଧ୍ୟ ଜବତ କରାଯାଇଛି । ଜଗତସିଂହପୁର ବାଲିକୁଦାର ଅଙ୍ଗନବାଡି ସୁପରଭାଇଜର ପ୍ରତିମା ସାହୁଙ୍କ ନାଁରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ଲାଞ୍ଚ ନେବା ବେଳେ ସେ ଭିଜିଲାନ୍ସ ହାତରେ ଧରା ପଡିଥିଲେ । ତାଙ୍କୁ ଗିରଫ କରି ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା ।

ସେହିପରି ଅନୁଗୁଳ ପୋଲିସ ଟ୍ରେନିଂ କଲେଜର ପୋଲିସ ଇନ୍ସପେକ୍ଟର ରାମଚନ୍ଦ୍ର ବେହେରାଙ୍କୁ ଅପାରଗତା ଓ ବିଶୃଙ୍ଖଳିତ ଆଚରଣ ଯୋଗୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । କେନ୍ଦୁଝର ଜିଲ୍ଲା ସଦର ତହସିଲଦାରଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ରେଭିନ୍ୟୁ ସୁପରଭାଇଜର ହୃଦାନନ୍ଦ ସାହୁ ଜମିଜମା ମାପ ସମୟରେ ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଥିଲେ । ମୋ ସରକାର ତଥା ଅନ୍ୟ ସୂତ୍ରରୁ ମିଳିଥିବା ଫିଡବ୍ୟାକକୁ ବିଚାରକୁ ନେଇ କାର୍ଯାନୁଷ୍ଠାନ ଗ୍ରହଣ କରାଯାଇଛି । ରାଜ୍ୟ ସରକାର ନିକଟରେ ଜଣେ ବରିଷ୍ଠ ଭାରତୀୟ ବନସେବା ଅଧିକାରୀ ଓ ଜଣେ ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର କରିଛନ୍ତି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୪୬ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ।

Leave a Reply