୩ ଜଣ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର, ଜଣେ RI ଚାକିରିରୁ ବହିଷ୍କୃତ

Compulsory Retirement To 3 Executive Officer Under 5T

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ୱ ଦେଇଆସିଛନ୍ତି । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ୱଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି ।

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୩ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଜଣେ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି । ଏହା ସହିତ ଦୁଇ ଜଣ ଅଧିକାରୀଙ୍କ ପେନ୍‌ସନ ମଧ୍ୟ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି ।

ବାଧ୍ୟତାମୂଳକ ଅବସର ପାଇଥିବା ୩ ଜଣଙ୍କ ମଧ୍ୟରୁ ସମ୍ବଲପୁର ମହାନଗର ନିଗମର କମ୍ୟୁନିଟି ଅର୍ଗାନାଇଜର, (ଜଟଣୀ ମ୍ୟୁନିସିପାଲଟି ଓ ଛତ୍ରପୁର ଏନ୍‌.ଏ.ସି.ର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ) ଲଳିତା କପୁରଙ୍କ ନାମରେ ୨ଟି ଦୁର୍ନୀତି ଅଭିଯୋଗ ରହିଛି । ସରକାରୀ ଅର୍ଥ ଆତ୍ମସାତ କରିବା ସହିତ ଆହୁରି ଅନେକ ଦୁର୍ନୀତି ଅଭିଯୋଗ ତାଙ୍କ ନାମରେ ରହିଛି । ବେଲପାହାଡ଼ ମ୍ୟୁନିସିପାଲଟିର କାର୍ଯ୍ୟ ନିର୍ବାହୀ ଅଧିକାରୀ ଲୋକନାଥ ତିୱାରୀଙ୍କୁ ମଧ୍ୟ ଅପାରଗତା ଓ ଅସାଧୁତା ଯୋଗୁଁ  ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେହିପରି ଝାରସୁଗୁଡ଼ା ମ୍ୟୁନିସପାଲଟିର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ରାମଚନ୍ଦ୍ର ପ୍ରଧାନଙ୍କୁ ଅପାରଗତା, ଅସାଧୁତା ଓ ଆର୍ଥିକ ଅନିୟମିତତା ଯୋଗୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଏଥିସହ ପଢ଼ନ୍ତୁ: ବିଦେଶରୁ ଫେରିଲେ ୧୪ ଦିନ ସଙ୍ଗରୋଧ

ପୁରୀ ଜିଲ୍ଲା ବେତାଲ ଆର.ଆଇ ସର୍କଲର ରାଜସ୍ୱ ନିରୀକ୍ଷକ ମନୋଜ କୁମାର ପରିଡ଼ାଙ୍କୁ ଦୁର୍ବ୍ୟବହାର, ବିଶୃଙ୍ଖଳା ଆଚରଣ ଓ କର୍ତ୍ତବ୍ୟରେ ଅବହେଳା ଓ ଉଚ୍ଚପଦାଧିକାରୀଙ୍କ ନିର୍ଦ୍ଦେଶ ଅବମାନନା ଯୋଗୁ ଚାକିରିରୁ ବହିଷ୍କୃତ କରାଯାଇଛି । ଉପରୋକ୍ତ ଚାରିଜଣଙ୍କ ସମ୍ପର୍କରେ ମଧ୍ୟ ମୋ ସରକାରକୁ ଜନସାଧାରଣ ପ୍ରତିକୂଳ ମତାମତ ଦେଇଥିଲେ ।

ଏହାସହିତ ଓଡ଼ିଶା ପୋଲିସ ସେବା ଅଧିକାରୀ ବଲାଙ୍ଗିରର ପୂର୍ବତନ ଅତିରିକ୍ତ ଏସପି ତଥା ହୋମଗାର୍ଡର ପୂର୍ବତନ ଡିଏସପି ଶ୍ରୀକାନ୍ତ ମିଶ୍ର ଏବଂ ଗଞ୍ଜାମ ବେଲଗୁଣ୍ଠା ବ୍ଲକ୍‌ର ପୂର୍ବତନ ଏଏଫଓ ଏପିଲି ଉଦୟନାଥଙ୍କର ପେନସନକୁ ସ୍ଥାୟୀ ଭାବରେ ବନ୍ଦ କରାଯାଇଛି । ସେମାନଙ୍କ ନାମରେ ଥିବା ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେବା ଯୋଗୁ ଏହି ପଦକ୍ଷେପ ନିଆଯାଇଛି । ଏପର୍ଯ୍ୟନ୍ତ ୧୪୦ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ସରକାର ।

Leave a Reply