ଆସୁଛି ଅସାନୀ, ସବୁ ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ଜାରି

1 min read

ଭୁବନେଶ୍ୱର:  ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ଅସାନୀ । ଘନୀଭୂତ ହୋଇ ୧୬ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ପୁରୀଠାରୁ ଦକ୍ଷିଣ-ଦକ୍ଷିଣ-ପୂର୍ବ ଦିଗରେ ୧୦୩୦ କିଲୋମିଟର ଓ ବିଶାଖାପାଟଣାଠାରୁ ଦକ୍ଷିଣ-ପୂର୍ବ ଦିଗରେ ୯୭୦ କିଲୋମିଟର ଦୂରରେ ରହିଛି । ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବ ।  ୧୦ ତାରିଖ ସଂଧ୍ୟାରେ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ନିକଟ ସମୁଦ୍ରରେ ପହଞ୍ଚିବ । ରିକର୍ଭ କରି ଉତ୍ତର-ଉତ୍ତର ପୂର୍ଵ ଦିଗରେ ଗତି କରିବ ଅସାନୀ । ଉତ୍ତର-ଉତ୍ତର-ପୂର୍ବ ଦିଗରେ ମୁହାଁଇବା ସମ୍ଭାବନା ରହିଛି । ସ୍ଥଳଭାଗ ନ ଛୁଇଁ ସମୁଦ୍ର ଭିତରେ ଦୁର୍ବଳ ହୋଇଯାଇପାରେ ବାତ୍ୟା ।

ବାତ୍ୟା ପ୍ରଭାବରେ ଦୁଇ ଦିନ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ବର୍ଷା ପବନ ଲାଗି ରହିବ । ସବୁ ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି । ପ୍ରଭାବରେ କାଲିଠୁ ଓଡ଼ିଶା ଓ ଆନ୍ଧ୍ର ଉପକୂଳ ସମୁଦ୍ର ଅଶାନ୍ତ ରହିବ । ୧୦ ତାରିଖ ସନ୍ଧ୍ୟାରୁ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଗଜପତି, ଗଞ୍ଜାମ ଓ ପୁରୀରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ସେହିପରି ୧୧ ତାରିଖରେ ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କଟକରେ ହେବ ଅତି ପ୍ରବଳ ବର୍ଷା । ୧୨ ତାରିଖରେ ମଧ୍ୟ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ବରରେ ପ୍ରବଳ ବର୍ଷା ହେବ । ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ବହିବ ପବନ । ୯ ରୁ ୧୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।