spot_img

Latest Posts

ମକରରେ ମହକୁଛି ଶ୍ରୀମନ୍ଦିର, ଅନୁଷ୍ଠିତ ହେଉଛି ଶ୍ରୀଜୀଉଙ୍କ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ: ଆଜି ପବିତ୍ର ମକର ସଂକ୍ରାନ୍ତି । ଏନେଇ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଅଛି । ଶ୍ରୀଜୀଉଙ୍କ ମଙ୍ଗଳ ଆଳତି ଓ ଅବକାଶ ନୀତି ବଢ଼ିବା ପରେ ଶ୍ରୀଜିଉଙ୍କ ପଟା ପହରଣ ଲାଗି କରାଯାଇଛି । ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହୋଇଛି । କର୍ପୂର ଲାଗି ହୋଇ ଶ୍ରୀବିଗ୍ରହମାନଙ୍କର ବେଶ କରାଯାଇଛି ।

ସେହିପରି ଗୋପାଳବଲ୍ଲଭ ଓ ସକାଳ ଧୂପ ନୀତି ବଢ଼ିବା ପରେ ମଇଲମ, ମହାସ୍ନାନ, ସର୍ବାଙ୍ଗ ଲାଗି, ନୂଆଲୁଗା ଲାଗି, ମାଳଚୂଳ ଲାଗି ହେବା ପରେ ୬ ମୂର୍ତ୍ତି ଅଳଙ୍କାର ଲାଗି ହୋଇ ମକରବେଶ ଅନୁଷ୍ଠିତ ହୋଇଛି । ଗତକାଲି ଠାରୁ ଭୋଗମଣ୍ଡପ ଘରେ ଶୁଦ୍ଧପୂତ ଭାବେ ଅଧିବାସ ହୋଇ ରଖାଯାଇଥିବା ମକରଚାଉଳକୁ ପତ୍ରିବଡ଼ୁ ସେବକ ମୁହଁରେ ବାଘମୁହାଁ ବାନ୍ଧି ଘଣ୍ଟ, ଛତା, କାହାଳୀ ପଟୁଆରରେ ମୁଖ୍ୟ ମନ୍ଦିରକୁ ତିନିଥର ପରିକ୍ରମା କରି ତିନି ବାଡ଼ରେ ତିନି ପୂଜାପଣ୍ଡା ପଞ୍ଚୋପଚାରରେ ମଣୋହି କରିବେ ।

ମକରରେ ଗୋପାଳବହ୍ଲବ ଭୋଗ ସରିବା ପରେ ଶ୍ରୀଜିଉମାନଙ୍କୁ ବନ୍ଦାପନା କରାଯିବାର ବିଧି ରହିଛି । ହିନ୍ଦୁ ଧର୍ମ ବିଶ୍ୱାସ ଅନୁସାରେ ମକର ସଂକ୍ରାନ୍ତି ଦିନ ଯେଉଁ ଭକ୍ତ ମହାପ୍ରଭୁଙ୍କୁ ଦର୍ଶନ କରି ବିଧିପୂର୍ବକ ବେଢ଼ା ପ୍ରଦକ୍ଷିଣ କରନ୍ତି, ସେମାନେ ପୁଣ୍ୟଲାଭ ସହିତ ମୁକ୍ତିଲାଭ କରିଥାଆନ୍ତି । ସେପଟେ ପବିତ୍ର ମକରରେ ଶ୍ରୀଜୀଉଙ୍କୁ ଦର୍ଶନ କରିବା ନେଇ ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି ।

Latest Posts

Don't Miss