ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକ

ଭୁବନେଶ୍ବର: ଖଲ୍ଲିକୋଟର ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକ ପ୍ରକାଶ ପାଇଛି। ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି । ରାଜ୍ୟପାଳ ରଘୁବର ଦାସ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରି ଲେଖିଛନ୍ତି, ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ବିଜୁ ଜନତା ଦଳର ବରିଷ୍ଠ ନେତ୍ରୀ ଭାବେ ଦଳକୁ ସଙ୍ଗଠିତ କରିବାରେ ତାଙ୍କର ବଡ଼ ଯୋଗଦାନ ରହିଛି। ଖଲିକୋଟ ଓ କବିସୂର୍ଯ୍ୟନଗର ବିଧାନସଭା ନିର୍ବାଚନମଣ୍ଡଳୀରୁ ୧୦ଥର ବିଧାୟିକା ଭାବେ ପ୍ରତିନିଧିତ୍ୱ କରି ଜନସେବାରେ ସେ ନିଜର ସ୍ୱତନ୍ତ୍ର ଛାପ ଛାଡ଼ି ଯାଇଛନ୍ତି। ଏହା ଏକ ଅପୂରଣୀୟ କ୍ଷତି। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି। ସେହିପରି ସାଂସଦ ମାନସ ମଙ୍ଗରାଜ ମଧ୍ୟ ଶୋକ ପ୍ରକାଶ କରିଛନ୍ତି । ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ଶୋକ ପ୍ରକାଶ କରିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।