ପରଲୋକରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ

ନନ୍ଦିଘୋଷ ବ୍ୟୁରୋ: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କର ୮୪ ବର୍ଷ ବୟଷରେ ପରଲୋକ ହୋଇଯାଇଛି । ଗତ କିଛିଦିନ ଧରି ସେ ଅସୁସ୍ଥ ଥିଲେ । ଦିଲ୍ଲୀରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି । ସେ ଦେବଗଡ଼ ଲୋକସଭା କ୍ଷେତ୍ରରୁ ଦୁଇଥର ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ୧୯୯୮ ଓ ୧୯୯୯ରେ ସେ ଦେବଗଡ଼ ଲୋକସଭା ଆସନରୁ ସଂସଦକୁ ନିର୍ବାଚିତ ହୋଇଥିଲେ । ୧୯୯୮ରେ ସେ କେନ୍ଦ୍ର ଭୂପୃଷ୍ଠ ପରିବହନ ମନ୍ତ୍ରୀ ହୋଇଥିଲେ । ୧୯୯୯ରେ ସେ ଅଟଳ ବିହାରୀ ବାଜପେୟୀଙ୍କ ସରକାରରେ କେନ୍ଦ୍ର ଭୂପୃଷ୍ଠ ପରିବହନ ସହ କୃଷି ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ ।
ତାଳଚେର ବିଜେପି ମଣ୍ଡଳ ସଭାପତି ଭାବେ ରାଜନୈତିକ ଜୀବନ ଆରମ୍ଭ କରିଥିଲେ । ୧୯୮୮ରୁ ୧୯୯୦ ଓ ୧୯୯୦ରୁ ୧୯୯୩ ପର୍ଯ୍ୟନ୍ତ କ୍ରମାଗତ ଭାବେ ଦୁଇଥର ସେ ରାଜ୍ୟ ବିଜେପି ସଭାପତି ଥିଲେ । ୧୯୯୫ରେ ସେ ତୃତୀୟ ଥର ପାଇଁ ବିଜେପି ରାଜ୍ୟ ସଭାପତି ଦାୟିତ୍ୱ ତୁଲାଇଥିଲେ । ୧୯୯୭ରୁ ୧୯୯୮ ପର୍ଯ୍ୟନ୍ତ ସେ ବିଜେପି କେନ୍ଦ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ଥିଲେ ।୨୦୦୧ରୁ ୨୦୦୨ ପର୍ଯ୍ୟନ୍ତ ସେ ବିଜେପି ରାଷ୍ଟ୍ରୀୟ ଉପସଭାପତି ଥିଲେ ।