ତାତିରୁ ମିଳୁନି ତ୍ରାହି, ଘଡ଼ଘଡ଼ି ବିଜୁଳି ସହ ବର୍ଷା ପାଇଁ ୭ ଜିଲ୍ଲାକୁ ୟେଲୋ ଆଲର୍ଟ

1 min read
Heat Wave Condition Continued, Thunderstorm Rain Warning

ଭୁବନେଶ୍ୱର: ରାଜ୍ୟରେ ବଢ଼ି ଚାଲିଛି ତାତି । ପଶ୍ଚିମ ଓଡ଼ିଶାରେ ଉପରମୁହାଁ ହୋଇଛି ପାରଦ । କେବଳ ରାଜ୍ୟ ନୁହେଁ ଦେଶର ଉତ୍ତପ୍ତ ସହର ପାଲଟୁଛି ଆଭ୍ୟନ୍ତରୀଣ ଓଡ଼ିଶା । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାତି ଆହୁରି ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ । ଏଥିପାଇଁ ଦିନ ୧୨ଟାରୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ଜରୁରୀ କାମ ନଥିଲେ ବାହାରକୁ ନବାହାରିବାକୁ ପରାମର୍ଶ ଦିଆଯାଇଛି । ଆଜି ୪୦ ଡିଗ୍ରୀ ଉପରେ ରହିଛି ରାଜ୍ୟର ୧୬ଟି ସହର ରହିଛି । ୪୩. ୪ ଡିଗ୍ରୀ ସହ ବାରିପଦା ସବୁଠାରୁ ଉତ୍ତପ୍ତ ସହର ରହିଛି ।

ଅନ୍ୟପଟେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଜାରି ରହିଛି କାଳବୈଶାଖୀର ତାଣ୍ଡବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ପାଇଁ ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷକରି କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ସତର୍କ ସୂଚନା ଜାରି କରାଯାଇଛି । ୧୮ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଉପକୂଳ ଉତ୍ତର ଓଡ଼ିଶାରେ ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ ।