ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା, ୧୦ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଂ

1 min read

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ବର୍ଷା । ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ଫଳରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଆଗାମୀ ୧୨ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗରେ ଓଡ଼ିଶା-ଉପକୂଳ ଆଡ଼କୁ ଗତି କରିବ । ଲଘୁଚାପ ପ୍ରଭାବରେ ଆଜିଠୁ ୨୩ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ବିଜୁଳି ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି । ବିଶେଷ କରି ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଜଗତସିଂହପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଏବଂ କୋରାପୁଟ ପ୍ରଭୃତି ୧୦ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ୧୦ଟି ଜିଲ୍ଲାକୁ ଅରେଞ୍ଜଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସେହିପରି ଗଜପତି, ମାଲକାନାଗିରି, ରାୟଗଡ଼ା, ଖୋର୍ଦ୍ଧା, କେନ୍ଦ୍ରପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ସୋନପୁର, ବଲାଙ୍ଗୀର ଏବଂ ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।