ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ୯ ଜିଲ୍ଲାକୁ ଅରେଞ୍ଜ ଓ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ଛତିଶଗଡ଼ ମୁହାଁ ହୋଇଛି ଅବପାତ । ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ୯ ଜିଲ୍ଲାକୁ ଅରେଞ୍ଜ, ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷକରି ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ୱର ଓ ବରଗଡ଼ରେ ପ୍ରବଳ ବର୍ଷା ହେବ । କାଲି ପାଇଁ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ୧୨ ତାରିଖରେ ସାମାନ୍ୟ ବର୍ଷା କମିବ । ପରେ ୧୩ରୁ ପୁଣି ବର୍ଷାର ପରିମାଣ ବଢ଼ିବ ।

ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶାରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଅବପାତରେ ପରିଣତ ହେବା ପରେ ତଳମୁଣ୍ଡରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ବର୍ଷା ସମୟରେ ଉପକୂଳ ଓଡ଼ିଶାରେ ଘଣ୍ଟା ପ୍ରତି ୪୫ରୁ ୫୫ ଏବଂ ଝଟକା ପବନର ବେଗ ୬୫ କିଲୋମିଟର ପର୍ଯ୍ୟନ୍ତ ଯାଇପାରେ । ଏହାର ପ୍ରଭାବରେ ସମୁଦ୍ରରେ ୩ରୁ ୪ ମିଟର ଉଚ୍ଚର ଜୁଆର ଉଠିବ । ଏଥିପାଇଁ ମତ୍ସଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି । ଅବପାତ ବର୍ଷା ପାଇଁ ପୁରୀ, ପାରାଦୀପ, ଧାମରା ଏବଂ ଗୋପାଳପୁର ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି ।