ଆସୁଛି ଲଘୁଚାପ ବଢ଼ିବ ବର୍ଷା, ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଚାଷୀଙ୍କ ପାଇଁ ଖୁସି ଖବର । ଆସୁଛି ଲଘୁଚାପ । ଆଉ ଦିନକ ପରେ ରାଜ୍ୟରେ ବଢ଼ିବ ବର୍ଷା । ମୌସୁମୀ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଜାରି ରହିଥିବାବେଳେ ୪ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଉତ୍ତର ଓଡ଼ିଶା ଓ ତା’ର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ ବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ମୌସୁମୀ ସକ୍ରିୟ ହେବା ସହ ଭଲ ବର୍ଷା ହେବ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହାର ପ୍ରଭାବରେ ୬ ତାରିଖରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେପଟେ ଆଜି ବର୍ଷା ପାଇଁ ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।