ଆଜି ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ, ତିନିଦିନ ଅତିପ୍ରବଳ ବର୍ଷା

ଭୁବନେଶ୍ବର: ଆଜି ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ନେବ ଲଘୁଚାପର ରୂପ । ପ୍ରଭାବରେ ଆସନ୍ତା ତିନି ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କେନ୍ଦୁଝର ଏବଂ ମୟୂରଭଞ୍ଜକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲା ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, ଝାରସୁଗୁଡା, କୋରାପୁଟ ଏବଂ ମାକାଲକାନଗିରିକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହିସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
୨୬ ତାରିଖରେ କେନ୍ଦୁଝର ଏବଂ ମୟୂରଭଞ୍ଜାରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ୨୭ ଓ ୨୮ ତାରିଖରେ ବର୍ଷା କମିବା ସହ ୨୯ ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ଅଗଷ୍ଟ ୩୧ ରୁ ସେପ୍ଟେମ୍ବର ୩ ତାରିଖ ପର୍ଯ୍ୟନ୍ତ ପୁଣି ନିର୍ଧୁମ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ସେପଟେ ଜୁନ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକଠାରୁ ୧୧ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି ।