୨୪ରୁ ବର୍ଷା, ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ

1 min read

ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଧିରେ ଧିରେ ଘନୀଭୂତ ହେଉଛି । କାଲି ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ୨୩ ତାରିଖ ବେଳକୁ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ପ୍ରଭାବରେ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

୨୪ ତାରିଖରେ ଏହାର ପ୍ରଭାବରେ ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଞ୍ଜାମ ଏବଂ ଗଜପତିରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୨୫ ତାରିଖରେ ବଢିବ ବର୍ଷାର ପରିମାଣ । ଉପକୂଳ ଓଡ଼ିଶା ସମେତ ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ଅନୁଗୁଳ, ଢେଙ୍କାନାଳ ଏବଂ ନୟାଗଡ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି।

ବିଶେଷ କରି ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ । ଝଟକା ପବନ ଘଣ୍ଟାପ୍ରତି ୭୦ କିଲୋମିଟର ପର୍ଯ୍ୟନ୍ତ ହୋଇପାରେ । ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସଜୀବୀମାନେ ସତର୍କ ରହିବା ପାଇଁ ପରାମର୍ଶ କରିଛି ପାଣିପାଗ ବିଭାଗ । ଅବପାତଟି ପ୍ରଥମେ ଆନ୍ଧ୍ର ମୁହାଁ ହୋଇ ଦିଗ ପରିବର୍ତ୍ତନ କରି ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଆଡକୁ ମୁହାଁଇବ ବୋଲି କହିଛନ୍ତି ପାଣିପାଗ ବିଜ୍ଞାନୀ । ତେବେ ଲଘୁଚାପ ସୃଷ୍ଟି ହେବା ପରେ ସ୍ପଷ୍ଟ ଚିତ୍ର ଆସିବ ବୋଲି ପାଣିପାଗ ବିଭାଗ କହିଛି ।