ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୨୨ରୁ ପୁଣି ବଢିବ ବର୍ଷା

1 min read

ଭୁବନେଶ୍ବର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ୨୨ ତାରିଖରୁ ପୁଣି ବଢିବ ବର୍ଷା । ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କଲା ପାଣିପାଗ କେନ୍ଦ୍ର । ଘଡଘଡି ବିଜୁଳି ସହ ପ୍ରବଳ ବର୍ଷିବ । ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ରହିବ ଲଘୁଚାପର ପ୍ରଭାବ । ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ନେଇ ଆକଳନ । ବଢିପାରେ ନଦୀର ଜଳସ୍ତର । ବର୍ତ୍ତମାନ ରାଜ୍ୟରେ ମୌସୁମୀ ନିମ୍ନ ଚାପରେଖା ସକ୍ରିୟ ଥିବା ବେଳେ ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ।

ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିବ ବଙ୍ଗୋପସାଗରରେ ଲଘୁଚାପର ରୂପ ନେବ । ପ୍ରଭାବରେ ୨୨ ତାରିଖ ଦିନ ଘଡଘଡି ବିଜୁଳି ସହ ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ନୟାଗଡ, ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

୨୩ ତାରିଖରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ । ପ୍ରବଳ ବର୍ଷା ନେଇ ୧୦ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେପଟେ ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ କିଛି ସ୍ଥାନରେ ହାଲୁକା ବର୍ଷା ହୋଇଛି । ଉପକୂଳ ଓଡ଼ିଶାର କିଛି ସ୍ଥାନରେ ୩୦ ରୁ ୩୫ ଡିଗ୍ରୀ ତାପମାତ୍ରା ରେକର୍ଡ ହେବା ସହ ବାୟୁମଣ୍ଡଳରେ ୬୦ ରୁ ୭୦ ପ୍ରତିଶତ ଆଦ୍ରତା ରହିଥିଲା । ଫଳରେ କିଛି ସ୍ଥାନରେ ଗରମ ଗୁଳୁଗୁଳି ଅନୁଭୁତ ହୋଇଛି । ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ମେଘୁଆ ପାଗ ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ।

ସେପଟେ ଜୁନ୍ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୧ହଜାର ଦଶମିକ ୬ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଯାହା ସ୍ବାଭାବିକ ବର୍ଷା ଠାରୁ ୮ ପ୍ରତିଶତ ନିଅଣ୍ଟିଆ । ୧୦ ଟି ଜିଲ୍ଲାରେ ୧୯ ରୁ ୫୯ ପ୍ରତିଶତ ନିଅଁଣ୍ଟିଆ ବର୍ଷା ହୋଇଥିବା ବେଳେ ୧୯ଟିରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି ।