ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ, କାଲି ଯାଏଁ ଅତିପ୍ରବଳ ବର୍ଷା

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଘୂର୍ଣ୍ଣିବଳୟ । ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିହେବା ସମ୍ଭାବନା ରହିଛି । ପ୍ରଭାବରେ ଆସନ୍ତା କାଲିଯାଏଁ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ୪ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ ସୁନ୍ଦରଗଡ଼, ଅନୁଗୁଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏଥିସହ ଝାରସୁଗୁଡ଼ା, ସମ୍ବଲପୁର,ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର, ବାଲେଶ୍ଵରକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲି ପାଇଁ ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଏଥିପାଇଁ ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼,କେନ୍ଦୁଝରକୁ ସତର୍କତା ଜାରି କରାଯାଇଛି । ଏହି ସମୟରେ କମ ଦୃଶ୍ୟମାନ ରହିବା ସହ ରାସ୍ତା ଜଳମଗ୍ନ ଏବଂ ତଳୁଆ ଅଞ୍ଚଳ ଗୁଡିକରେ ପାଣି ଜମିରହିବା ସମ୍ଭାବନା ରହିଛି । ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୫୦୭.୦ ମିମି ବର୍ଷା ରେକର୍ଡ ହୋଇଛି । ଏବେବି ୧୦ ପ୍ରତିଶତ ନିଅଁଟିଆ ବର୍ଷା ରହିଛି। ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୩ ଜିଲ୍ଲାରେ ଅଧିକ ବର୍ଷା ଓ ୧୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ବାକି ୧୧ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।