ନାମାଙ୍କନ ଦାଖଲ କଲେ ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼

ନୂଆଦିଲ୍ଲୀ : ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ ନାମାଙ୍କନ ଦାଖଲ କରିଛନ୍ତି। ନାମାଙ୍କନ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଉପସ୍ଥିତ ଥିଲେ। ସେହିପରି ବିଜେଡି ସାଂସଦ ପିନାକୀ ମିଶ୍ର ମଧ୍ୟ ଉପସ୍ଥିତ ଥିଲେ। ଜଗଦୀପଙ୍କୁ ସମର୍ଥନ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିବେଦନ କରିଥିଲେ। ଏହାର ଉତ୍ତରରେ ମୁଖ୍ୟମନ୍ତ୍ରୀ ତାଙ୍କ ପ୍ରାର୍ଥୀଙ୍କୁ ସମର୍ଥନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ଜଗଦୀପ ଧନଖଡ଼ ପଶ୍ଚିମବଙ୍ଗର ରାଜ୍ୟପାଳ ଥିଲେ।

ଅନ୍ୟପଟେ କଂଗ୍ରେସ ନେତା ମାର୍ଗାରେଟ୍ ଆଲଭାଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ କରିଛନ୍ତି ବିରୋଧୀ ଦଳ। ଚାରି ଥର ରାଜ୍ୟସଭା ସାଂସଦ ରହିଥିବା ଆଲଭା ୧୯୯୯ରେ ଲୋକସଭାକୁ ନିର୍ବାଚିତ ହୋଇଥିଲେ। ଉପରାଷ୍ଟ୍ରପତି ଭେଙ୍କୈୟା ନାଇଡୁଙ୍କ କାର୍ଯ୍ୟକାଳ ଅଗଷ୍ଟ ୧୦ରେ ଶେଷ ହେବାକୁ ଯାଉଛି । ଆସନ୍ତାକାଲି ନାମାଙ୍କନ ଦାଖଲର ଶେଷ ଦିନ। ଜୁଲାଇ ୨୦ରେ ନାମାଙ୍କନ ପତ୍ର ଯାଞ୍ଚ। ଉପ ରାଷ୍ଟ୍ରପତି ନିର୍ବାଚନ ପାଇଁ ଅଗଷ୍ଟ ୬ରେ ମତଦାନ ହେବ।