ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଓଡ଼ିଶା ଇତିହାସରେ ବଡ଼ ସଫଳତା, ସ୍ମାର୍ଟ ଚିକିତ୍ସା ପାଇବେ ସାଢ଼େ ୩ କୋଟି ଲୋକ

1 min read
Jajpur Included In BSKY, Now 3.5 Crore Odia Will Get Free Treatment

ଭୁବନେଶ୍ୱର: ମାଲକାନଗିରିରୁ ଅଗଷ୍ଟ ୨୦ ତାରିଖରେ ଆରମ୍ଭ ହୋଇଥିବା ସେବା ଓ ପ୍ରତିବଦ୍ଧତାର ଏ ଅଭିଯାନ ଆଜି ଯାଜପୁରରେ ଉଦଯାପିତ ହୋଇଛି । ରାଜ୍ୟର ୯୬ ଲକ୍ଷ ପରିବାରର ସାଢ଼େ ତିନି କୋଟି ଲୋକ ସାମିଲ ହୋଇଛନ୍ତି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲଥ କାର୍ଡ କାର୍ଯ୍ୟକ୍ରମରେ । ରାଜ୍ୟର ଗରିବ ଲୋକଙ୍କୁ ସବୁଦିନ ପାଇଁ ଚିକିତ୍ସା ଖର୍ଚ୍ଚରୁ ମୁକ୍ତି ମିଳିଛି ।

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଏହାସହିତ ରାଜ୍ୟର ୩୦ଟି ଜିଲ୍ଲା ଏହି ଯୋଜନାରେ ସାମିଲ ହୋଇଛନ୍ତି । କେନ୍ଦ୍ରାପଡ଼ାର ସାଢେ ୧୧ ଲକ୍ଷ ଲୋକ ଏହି ସୁବିଧା ପାଇବା ବେଳେ  ଯାଜପୁରର ୧୫ ଲକ୍ଷ ୪୦ ହଜାର ଲୋକ ସ୍ମାର୍ଟ କାର୍ଡ ପାଇବେ ।

 Jajpur Included In BSKY, Now 3.5 Crore Odia Will Get Free Treatment

ଏହି ଅବସରରେ ଉଭୟ ଜିଲ୍ଲାରେ ଜନସାଧାରଣଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍‌ଥ କାର୍ଡ ରାଜ୍ୟବାସୀଙ୍କୁ ଚିକିତ୍ସା ଖର୍ଚ୍ଚ ଚିନ୍ତା ଦୂର କରିବ । ଖଣ୍ଡିଏ କାର୍ଡ ଧରି ରାଜ୍ୟର ସବୁଠାରୁ ଗରିବ ଲୋକଟିଏ ମଧ୍ୟ ଦେଶର ସବୁଠାରୁ ଭଲ ହସ୍ପିଟାଲରେ ବିନା ପଇସାରେ ପାଇପାରିବ ଚିକିତ୍ସା ସୁବିଧା । ଏହାଦ୍ୱାରା ସେ ନିଜେ ବ୍ୟକ୍ତିଗତ ଭାବରେ ବହୁତ ଖୁସି ବୋଲି ପ୍ରକାଶ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କେନ୍ଦ୍ରାପଡ଼ା ଜିଲ୍ଲାରେ ୧୫୦୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । କେନ୍ଦ୍ରାପଡ଼ା ସହିତ ବିଜୁ ବାବୁଙ୍କର ସମ୍ପର୍କକୁ ମନେ ପକାଇ ସେ କହିଛନ୍ତି,  କେନ୍ଦ୍ରାପଡ଼ା ଥିଲା ବିଜୁ ବାବୁଙ୍କ କର୍ମ ଭୂମି । କେନ୍ଦ୍ରାପଡ଼ାବାସୀଙ୍କ ସୁଖଦୁଃଖରେ ସେ ସାମିଲ ଥିଲେ । ଆଜି ମଧ୍ୟ କେନ୍ଦ୍ରାପଡ଼ାର ମାଟି, ପାଣି ଓ ପବନରେ ବିଜୁ ବାବୁଙ୍କ ସ୍ମୃତି ଜଡ଼ିତ ହୋଇ ରହିଛି ।

 Jajpur Included In BSKY, Now 3.5 Crore Odia Will Get Free Treatment

କେନ୍ଦ୍ରାପଡ଼ାରେ ଶିଳ୍ପର ବିକାଶ ପାଇଁ ବହୁ ଦିନ ଧରି ଦାବି ଥିଲା । ଜିଲ୍ଲାରେ ଇସ୍ପାତ ଶିଳ୍ପ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ବିଶ୍ୱ ପ୍ରସିଦ୍ଧ ଷ୍ଟିଲ କମ୍ପାନୀ ଆରସେଲର ମିତ୍ତଲ ସହିତ ରାଜିନାମା କରିଛନ୍ତି । ଏହାଦ୍ୱାରା କେନ୍ଦ୍ରାପଡ଼ା ଜିଲ୍ଲା ଦେଶର ଶିଳ୍ପ ମାନଚିତ୍ରରେ ଯୋଡ଼ ହେବ । କେନ୍ଦ୍ରାପଡ଼ାର ଭୂମିହୀନ ଚାଷୀମାନଙ୍କ ପାଇଁ ବଳରାମ ଯୋଜନାରେ ୨୧ ହଜାର ଚାଷୀଙ୍କୁ ୪୩ କୋଟି ଟଙ୍କାର ସହାୟତା ଦିଆଯାଇଛି । ଭୂମିହୀନ ଚାଷୀଙ୍କୁ ସହାୟତା ଦେବାରେ ଓଡ଼ିଶା ସାରା ଦେଶରେ ଏକ ନମ୍ବର ।

ଯାଜପୁରରେ ମୁଖ୍ୟମନ୍ତ୍ରୀ ୨୦୦୦ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଯାଜପୁରର ମିଶନ ଶକ୍ତିର ମାଆ ମାନଙ୍କ କାମକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ସେମାନଙ୍କର ବ୍ୟବସାୟକୁ ବଢ଼ାଇବା ପାଇଁ ୨୨୨ କୋଟି ଟଙ୍କାର ଋଣ ସହାୟତା ଦିଆଯାଇଛି । ଭଲ ପିଇବା ପାଣି ଉପରେ ରାଜ୍ୟ ସରକାରଙ୍କ ଗୁରୁତ୍ୱ ରହିଛି ।  ଯାଜପୁର ମ୍ୟୁନିସପାଲଟିର ସବୁ ପରିବାରକୁ ପାଇପ ପାଣିର ସୁବିଧା ଦିଆଯାଇ ପାରିଛି । ବ୍ୟାସନଗର ସହିତ ଆଉ ୮ଟି ବ୍ଲକ୍‌ରେ ପାଇପ ପାଣି ପାଇଁ ୧୦୦୦ କୋଟି ଟଙ୍କାର ପ୍ରକଳ୍ପ ଆରମ୍ଭ କରାଯାଇଛି । ସେହିପରି ବରି ଓ କୋରେଇ ବ୍ଲକ ପାଇଁ ମଧ୍ୟ ପାଇପ ପାଣିର ପ୍ରକଳ୍ପ ପ୍ରସ୍ତୁତ କରାଯାଉଛି । ୨୦୨୪ ସୁଦ୍ଧା ଜିଲ୍ଲାର ସବୁ ପରିବାରକୁ ପାଇପ ପାଣିର ସୁବିଧା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

 Jajpur Included In BSKY, Now 3.5 Crore Odia Will Get Free Treatment

ଚଳିତ ବର୍ଷ ସେପ୍ଟେମ୍ବର ୧ ତାରିଖରୁ ସାରା ରାଜ୍ୟରେ ବିଏସକେୱାଇ ସ୍ମାର୍ଟ ହେଲଥ କାର୍ଡରେ ସେବା ପ୍ରଦାନ ଆରମ୍ଭ ହୋଇଛି । ସେହି ଦିନ ଠାରୁ ଓଡ଼ିଶାର ସ୍ୱାସ୍ଥ୍ୟ ସେବାରେ ଏକ ନୂଆ ଯୁଗର ଆରମ୍ଭ ହୋଇଛି । ସ୍ମାର୍ଟ ହେଲଥ କାର୍ଡ ଦ୍ୱାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି । ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ସ୍ୱାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପଡ଼ିଲେ ଚିକିତ୍ସା ପାଇଁ କିପରି ଜମିବାଡ଼ି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି । ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦  ବଡ ବଡ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡ଼ିବ ନାହିଁ ।

ମୁଖ୍ୟମନ୍ତ୍ରୀ କହିଛନ୍ତି, ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଚାଷୀ ହେଉ ବା ମୂଲିଆ ବା ରିକ୍ସା ବାଲା । ସମସ୍ତେ  ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଓଡ଼ିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

 Jajpur Included In BSKY, Now 3.5 Crore Odia Will Get Free Treatment
FILE PIC

ଏହି ଅବସରରେ ମୁଖ୍ୟମନ୍ତ୍ରୀ ହିତାଧିକାରୀ ମାନଙ୍କୁ ଏହି ସ୍ମାର୍ଟକାର୍ଡ ବିଷୟରେ ପଚାରିବାରୁ ସେମାନେ ଏ କାର୍ଡ ପାଇ ବହୁତ ଖୁସି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ । ଏହି କାର୍ଯ୍ୟକ୍ରମରେ କେନ୍ଦ୍ରାପଡ଼ାରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ, ଜଳସମ୍ପଦ ଏବଂ ସୂଚନା ଓ ଲୋକସମ୍ପର୍କ  ମନ୍ତ୍ରୀ ରଘୁନନ୍ଦନ ଦାସ, କେନ୍ଦ୍ରାପଡ଼ା ବିଧାୟକ ଶଶୀ ଭୂଷଣ ବେହେରା ଏବଂ ଯାଜପୁରରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବକିଶୋର ଦାସ, ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ପଣ୍ଡା ଏବଂ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପ୍ରମୁଖ ଯୋଗ ଦେଇଥିଲେ।  ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ୱ ଯୋଗୁ ଓଡ଼ିଶା ଆଜି ସ୍ୱାସ୍ଥ୍ୟ ଠାରୁ ଆରମ୍ଭ କରି ଶିକ୍ଷା, ଭିତ୍ତିଭୂମି ଓ ଶିଳ୍ପ କ୍ଷେତ୍ରରେ ଓଡ଼ିଶା ଆଜି ଏକ ଆଗୁଆ ରାଜ୍ୟ ଭାବରେ ଦେଶରେ ଆଦର୍ଶ ସୃଷ୍ଟି କରିପାରିଛି ବୋଲି ସେମାନେ କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଓଡ଼ିଶା ଦେଶର ସର୍ବଶ୍ରେଷ୍ଠ ରାଜ୍ୟ ଭାବରେ ସୁନାମ କରିବ ବୋଲି ସେମାନେ ମତବ୍ୟକ୍ତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ଯାଜପୁରର ସମସ୍ତ ବିଧାୟକ ଓ ସାଂସଦ ଉପସ୍ଥିତ ଥିଲେ ।

Leave a Reply